କୋରାପୁଟରେ ୧୧୩ଟି ପ୍ରକଳ୍ପର ଉଦଘାଟନ ସହ ଏସଏଚଜି ମହିଳାଙ୍କୁ ୫୦ କୋଟିର ଋଣ ଦେଲେ ମୁଖ୍ୟମନ୍ତ୍ରୀ

କୋରାପୁଟ (କେନ୍ୟୁଜ): କୋରାପୁଟ ୧୫୯୬ କୋଟିର ପ୍ରକଳ୍ପ ଭେଟି। ୧୧୩ଟି ପ୍ରକଳ୍ପର ଉଦ୍‌ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୫୦ କୋଟିର ଋଣ ସହାୟତା ପ୍ରଦାନ କରିଛନ୍ତି ନବୀନ। ବିକ୍ରମଦେବ ସ୍ୱୟଂଶାସିତ ମହାବିଦ୍ୟାଳୟର ପ୍ଲାଟିନମ ଜୁବୁଲି ସମାରୋହ ଯୋଗଦେଇ ମୁଖ୍ୟମନ୍ତ୍ରୀ ଉଦ୍‌ବୋଧନ ଦେଇ କହିଛନ୍ତି, ଯୁବପିଢ଼ି ଓଡ଼ିଶାର ଆଗାମୀ ଭବିଷ୍ୟତ।

ବିକ୍ରମଦେବ ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ କରାଗଲା ଏଥିପାଇଁ ମୁଁ ବହୁତ ଖୁସି। ଛାତ୍ରଛାତ୍ରୀମାନେ ସମାଜ ସହ ଯୋଡ଼ି ହୋଇ ରୁହନ୍ତୁ, ଭଲ ପାଠ ପଢ଼ନ୍ତୁ। ବିକ୍ରମଦେବ କଲେଜ ଓଡ଼ିଶାର ଏକ ପ୍ରମୁଖ ଶିକ୍ଷାନୁଷ୍ଠାନ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବିକ୍ରମଦେବ ବିଶ୍ବବିଦ୍ୟାଳୟରେ ଏକ ଅତ୍ୟାଧୁନିକ ଅଡିଟୋରିଅମ ନିର୍ମାଣ କରାଯିବ ବୋଲି ଘୋଷଣା କରିଥିଲେ । ଏ ସଂପର୍କରେ ଅଧିକ ସୂଚନା ଦେଇ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ କହିଥିଲେ ଯେ ଏହି ଅଡିଟୋରିଅମ ୧୦୦୦ ଆସନ ବିଶିଷ୍ଟ ହେବ ଏବଂ ଏଥିପାଇଁ ୮ କୋଟି ଟଙ୍କା ବିନିଯୋଗ କରାଯିବ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଶିକ୍ଷା ଆମ ଭିତରେ ଥିବା ସମ୍ଭାବନାକୁ ବୃଦ୍ଧି କରିଥାଏ। ଯୁବସମାଜ ଉପରେ ତାଙ୍କର ପୁରା ଆସ୍ଥା ରହିଛି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆପଣମାନେ ଭଲ ପାଠ ପଢନ୍ତୁ ଏବଂ ସମାଜ ସହିତ ଯୋଡି ହୋଇ ରୁହନ୍ତୁ । ନିଜର ତଥା ନିଜ ପରିବାରର ଏବଂ ସାରା ଓଡିଶାର ସ୍ବପ୍ନ ପୂରଣ କରିବା ପାଇଁ ଉଦ୍ୟମ ଜାରି ରଖିବାକୁ ସେ ପରାମର୍ଶ ଦେଇଥିଲେ ।

କୋରାପୁଟ ତାଙ୍କ ପାଇ ସବୁବେଳେ ସ୍ବତନ୍ତ୍ର ବୋଲି ପ୍ରକାଶ କରି ନବୀନ କହିଥିଲେ ଯେ ଭିତ୍ତିଭୂମିର ବିକାଶ ଜରିଆରେ କୋରାପୁଟର ବିକାଶ ପାଇଁ କାମ କରାଯାଉଛି। ଭିତ୍ତିଭୂମିର ଗୁରୁତ୍ବ ସଂପର୍କରେ ଉଦାହରଣ ଦେଇ କହିଥିଲେ ଗୋଟିଏ ଗୁରୁପ୍ରିୟା ସେତୁ ଆଜି ସ୍ବାଭିମାନ ଅଞ୍ଚଳରେ ବିକାଶର ନୂଆ ଧାରା ଆଣିପାରିଛି ।

ଭିତ୍ତିଭୂମି ହିଁ ବିକାଶର ଆଧାର ବୋଲି ମତବ୍ୟକ୍ତ କରି ସେ କୋରାପୁଟ ପାଇଁ ୧୫୯୬ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ଏଧିରେ ୨୦୭.୮୦ କୋଟି ଟଙ୍କାର ପ୍ରକଳ୍ପ ଉଦ୍‌ଘାଟିତ ହୋଇଥିବା ବେଳେ ୧୩୭୮.୪୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ରଖାଯାଇଥିଲା । ସେତୁ, ସଡକ, ପାନୀୟ ଜଳ, ଜଳସେଚନ, ବିଦ୍ୟୁତୀକରଣ ଓ ପର୍ଯ୍ୟଟନ ଆଦି ପ୍ରକଳ୍ପ କାମ କରାଯାଇଛି ।

ମିଶନ ଶକ୍ତି କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ମା ମାନେ ଭଲ କାମ କରି ସାରା ରାଜ୍ୟ ପାଇଁ ସୁନାମ ଆଣିଛନ୍ତି ବୋଲି କହିଛନ୍ତି । ସ୍ବାଧୀନତାର ୭୫ ବର୍ଷ ଅବସରରେ ଜାତୀୟ ପତାକା ପ୍ରସ୍ତୁତ କରି ସେମାନେ ନିଜର ଦକ୍ଷତା ଦେଖାଇଛନ୍ତି ଏବଂ ସେମାନଙ୍କ ଉପରେ ଥିବା ଆମର ବିଶ୍ବାସକୁ ଆହୁରି ମଜବୁତ କରିଛନ୍ତି । ମା ମାନଙ୍କୁ ଉଦ୍ୟୋଗୀ ଭାବରେ ଦେଖିବାକୁ ଚାହେଁ ବୋଲି ପ୍ରକାଶ କରିଥିଲେ। ସବୁ ସ୍ବୟଂ ସହାୟକ ଗୋଷ୍ଠୀ ମାନଙ୍କୁ କ୍ଷୁଦ୍ର ଓ ମଧ୍ୟମ ଶିଳ୍ପାନୁଷ୍ଠାନରେ ପରିଣତ କରିବା ପାଇଁ କାମ ଆରମ୍ଭ ହୋଇଛି ଏବଂ ଏଥିପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଦିଆଯାଉଛି । ଆଗାମୀ ୫ ବର୍ଷରେ ୫୦ ହଜାର କୋଟି ଟଙ୍କା ଋଣ ଦିଆଯିବ । ମା ମାନଙ୍କ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅଧୀନରେ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଦିଆଯାଉଛି ।

ଏହି ଅବସରରେ ଜିଲ୍ଲାର ୧୨୩୫ ମିଶନ ଶକ୍ତି ଗୋଷ୍ଠୀକୁ ୫୦ କୋଟି ଟଙ୍କାର ସୁଧ ବିହୀନ ଋଣ ପ୍ରଦାନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ କୋରାପୁଟ ପର୍ଯ୍ୟଟନ ଉପରେ ଆଧାରିତ ଏକ ସ୍ବତନ୍ତ୍ର ପୋଷ୍ଟାଲ କଭର ଉନ୍ମୋଚିତ କରିଥିଲେ ।

ଏହି କାର୍ଯ୍ୟକ୍ରମରେ ଅନୁସୂଚିତ ଜାତି ଓ ଜନଜାତି ବିକାଶ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା, ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ରୋହିତ ପୂଜାରୀ, ଜୟପୁର ବିଧାୟକ ଶ୍ରୀ ତାରାପ୍ରସାଦ ବାହିନୀପତି, କୋରାପୁଟ ବିଧାୟକ ଶ୍ରୀ ରଘୁରାମ ପେଡାଲ, କୋରାପୁଟ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସଶ୍ମିତା ମେଲ୍ଲେକା ଏବଂ କୋରାପୁଟ ସ୍ବତନ୍ତ୍ର ବିକାଶ ପରିଷଦର ଅଧ୍ୟକ୍ଷ ଶ୍ରୀ ଚନ୍ଦ୍ରଶେଖର ମାଝୀ ପ୍ରମୁଖ ସେମାନଙ୍କ ବକ୍ତବ୍ୟ ରଖି ମୁଖ୍ୟମନ୍ତ୍ରୀଙ୍କ ବିଶ୍ବବିଦ୍ୟାଳୟ ଘୋଷଣାକୁ ସ୍ବାଗତ କରିଥିଲେ ଏବଂ ଏହାଦ୍ବାରା କୋରାପୁଟ ଜିଲ୍ଲା ଓ ସମଗ୍ର ଦକ୍ଷିଣ ଓଡିଶାରେ ଉଚ୍ଚଶିକ୍ଷା କ୍ଷେତ୍ରରେ ବିପୁଳ ସୁଯୋଗ ସୃଷ୍ଟି ହେବ ବୋଲି ମତବ୍ୟକ୍ତ କରିଥିଲେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.