ଜଷ୍ଟିସ ସଞ୍ଜୀବ ଖାନ୍ନା ହେବେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି, ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ କଲେ ସୁପାରିସ

ଜଷ୍ଟିସ ସଞ୍ଜୀବ ଖାନ୍ନା ହେବେ ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି । ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ ନଭେମ୍ବର ୧୦ ତାରିଖରେ ଅବସର ନେବେ । ତାଙ୍କ ଅବସର ପରେ ସେ ସର୍ବୋଚ୍ଚ ନ୍ୟାୟାଳୟର ୫୧ତମ ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ନେବେ ଜଷ୍ଟିସ ସଞ୍ଜୀବ ଖାନ୍ନା । ଏନେଇ କେନ୍ଦ୍ର ସରକାରଙ୍କୁ ଚିଠି ଲେଖି ସୁପାରିସ କରିଛନ୍ତି ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ଼ ।

ବର୍ତ୍ତମାନର ପ୍ରଧାନ ବିଚାରପତି ଜଷ୍ଟିସ ଡିୱାଇ ଚନ୍ଦ୍ରଚୂଡ ୧୦ ତାରିଖରେ ଅବସର ନେବା ପରେ ଜଷ୍ଟିସ ସଞ୍ଜୀବ ଖାନ୍ନା ନଭେମ୍ବର ୧୧ରେ ପ୍ରଧାନ ବିଚାରପତି ଭାବେ ଦାୟିତ୍ୱ ନେବେ । ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଭାବେ ତାଙ୍କ କାର୍ଯ୍ୟକାଳ ୬ ମାସ ରହିବ । ଜଷ୍ଟିସ ଖାନ୍ନାଙ୍କ କାର୍ଯ୍ୟକାଳ ଆସନ୍ତା ବର୍ଷ ମେ ୧୩ରେ ଶେଷ ହେବ ।

୧୯୮୩ରେ ଦିଲ୍ଲୀ ବାର୍ କାଉନସିଲରେ ପଞ୍ଜୀକରଣ ସହ ଆଇନଜୀବୀ ଭାବେ କାର୍ଯ୍ୟ ଆରମ୍ଭ କରିଥିଲେ ଜଷ୍ଟିସ ଖାନ୍ନା । ପ୍ରଥମେ ସେ ହଜାରି କମ୍ପ୍ଲେକ୍ସ ଜିଲ୍ଲାକୋର୍ଟରେ ଓକିଲ ଭାବେ ଅଭ୍ୟାସ କରିଥିଲେ । ଏହାପରେ ବିଭିନ୍ନ ହାଇକୋର୍ଟରେ ଓକିଲାତି କରିବା ସହ ସହକାରୀ ସରକାରୀ ଓକିଲ ଭାବେ ଦିଲ୍ଲୀ ହାଇକୋର୍ଟରେ କାର୍ଯ୍ୟ କରିଥିଲେ । ପରେ ଆମିକସ କ୍ୟୁରି ଭାବେ ନିଯୁକ୍ତି ପାଇଥିଲେ ।

୨୦୦୫ରେ ଦିଲ୍ଲୀ ହାଇକୋର୍ଟର ଆଡିସନାଲ ଜଜ୍ ହୋଇଥିଲେ ଜଷ୍ଟିସ୍ ସଞ୍ଜୀବ ଖାନ୍ନା । ୨୦୦୬ରେ ତାଙ୍କୁ ସ୍ଥାୟୀ ବିଚାରପତି ଭାବେ ନିଯୁକ୍ତି ମିଳିଥିଲା । ଏହାପରେ ୨୦୧୯ରୁ ସୁପ୍ରିମକୋର୍ଟର ବିଚାରପତି ଭାବେ ନିଯୁକ୍ତ ହୋଇଥିଲେ । ସେବେଠାରୁ ସେ ସୁପ୍ରିମକୋର୍ଟ ବିଚାରପତି ଭାବେ କାର୍ଯ୍ୟ କରିଆସୁଛନ୍ତି । ୧୭ ଜୁନ୍‌ ୨୦୨୩ରୁ ୨୫ ଡିସେମ୍ବର ୨୦୨୩ ପର୍ଯ୍ୟନ୍ତ ସେ ସର୍ବୋଚ୍ଚ ନ୍ୟାୟାଳୟର ବିଧିକ ସେବା ସମିତିର ଅଧ୍ୟକ୍ଷ ରହିଥିଲେ ।

You might also like