ଆଜି ମକର ସଂକ୍ରାନ୍ତି : ଜାଣନ୍ତୁ କ’ଣ ରହିଛି ଏହି ଦିନର ମାହାତ୍ମ୍ୟ

ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଦେଶର ବିଭିନ୍ନ ରାଜ୍ୟରେ ଏହି ପର୍ବକୁ ଅଲଗା ଅଲଗା ନାମରେ ପାଳନ କରାଯାଏ ।

ମକର ସଂକ୍ରାନ୍ତି ହେଉଛି ଏକ ସର୍ବ ଭାରତୀୟ ପର୍ବ । ଏହି ପର୍ବକୁ ସମସ୍ତେ ଉତ୍ସାହର ସହିତ ପାଳନ କରିଥାନ୍ତି । ଭାରତ ବାହାରେ ରୋମାନ ଓ ଇହୁଦୀମାନେ ମଧ୍ୟ ଏହି ପର୍ବ ପାଳନ କରନ୍ତି । ଭାରତର ବିଭିନ୍ନ ଅଞ୍ଚଳ ଅପେକ୍ଷା ଦକ୍ଷିଣ ଭାରତର ଏହା ସବୁଠାରୁ ବଡ଼ ପର୍ବ । ଦକ୍ଷିଣରେ ଏହାକୁ ପୋଙ୍ଗଲ ବୋଲି କହନ୍ତି । ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ମକର ରାଶିରେ ପ୍ରବେଶ କରିଥାନ୍ତି । ସୌର ଗଣନା ଅନୁସାରେ ମକର ସଂକ୍ରାନ୍ତିକୁ ମକର ମାସର ପ୍ରଥମ ଦିନ ହିସାବରେ ଗ୍ରହଣ କରାଯାଏ । ସଂକ୍ରାନ୍ତି ହେଉଛି ସୂର୍ଯ୍ୟଙ୍କର ସଂକ୍ରମଣ ବା ଗୋଟିଏ ରାଶିରୁ ଅନ୍ୟ ରାଶିକୁ ଚଳନ କରିବାର ଦିନ ।

ମକର ସଂକ୍ରାନ୍ତି ଦିନ ସୂର୍ଯ୍ୟ ଧନୁ ରାଶିରୁ ମକର ରାଶିକୁ କ୍ରମଶଃ ଗମନ କରନ୍ତି । ଦେଶର ବିଭିନ୍ନ ରାଜ୍ୟରେ ଏହି ପର୍ବକୁ ଅଲଗା ଅଲଗା ନାମରେ ପାଳନ କରାଯାଏ । ପ୍ରତିବର୍ଷ ୧୫ ଜାନୁୟାରୀରେ ମକର ସଂକ୍ରାନ୍ତି ପାଳନ କରାଯାଉଛି । ଆସନ୍ତୁ ଜାଣିବା ମକର ସଂକ୍ରାନ୍ତି ଦିନ କଣ କରିବାର ବିଧି ରହିଛି ଏବଂ କାହିଁକି ଏ ଉତ୍ସବ ପାଳନ କରାଯାଉଛି । ଏହି ଦିନଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ଆରମ୍ଭ ହୋଇଥାଏ । ଆସନ୍ତୁ ଜାଣିବା ମକର ସଂକ୍ରାନ୍ତି ଦିନ କଣ କରିବାର ବିଧି ରହିଛି ଏବଂ କାହିଁକି ଏ ଉତ୍ସବ ପାଳନ କରାଯାଉଛି ।

ବିଶ୍ୱାସ :

ଓଡ଼ିଆ ପ୍ରବାଦ ଅନୁଯାୟୀ ‘ମକରଠାରୁ ଦିନ ବକର ହୁଏ’, ଅର୍ଥାତ ଏହି ଦିନଠାରୁ ଦିନ କ୍ରମଶଃ ବଡ଼ ହୁଏ । ସୂର୍ଯ୍ୟଙ୍କର ତେଜ ମଧ୍ୟ ଏହି ଦିନଠାରୁ ପ୍ରଖର ହୁଏ । ଦେବୀ ସଂକ୍ରାନ୍ତି ଏହି ତିଥିରେ ଶଙ୍କରାସୁରକୁ ବଧ କରିଥିଲେ ।

ମକର ସଂକ୍ରାନ୍ତି ଠାରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ହେଉଥିବାରୁ ଆଲୋକ ଏବଂ ଜୀବନର ଉତ୍ସ ସୂର୍ଯ୍ୟଙ୍କୁ ହିନ୍ଦୁମାନେ ଏହିଦିନ ପୂଜାର୍ଚ୍ଚନା କରନ୍ତି । ଆଉ କେତେକ ସ୍ଥାନରେ ଏହି ଦିନ ଶିବଙ୍କୁ ପୂଜା କରାଯାଏ । କେତେକ ଏହି ଦିନ ଉଭୟ ଶିବ ଓ ସୂର୍ଯ୍ୟଙ୍କୁ ପୂଜା କରନ୍ତି ।

ଏହି ମକର ସଂକ୍ରାନ୍ତିର ପୂଣ୍ୟକାଳରେ ପ୍ରତ୍ୟୁଷରୁ ନଦୀ, ପୋଖରୀରେ ସ୍ନାନାଦି କାର୍ଯ୍ୟ ସମାପନ କରି ସୂର୍ଯ୍ୟଙ୍କୁ ଦର୍ଶନ କଲେ, ସକଳ ପାପରୁ ମୁକ୍ତି ମିଳେ ବୋଲି ବିଶ୍ୱାସ । ଏହି ଦିନ ପ୍ରସିଦ୍ଧ ଗଙ୍ଗାସାଗରଠାରେ ଏକ ବିରାଟ ମେଳା ହୁଏ । ପୁଣ୍ୟଲାଭ ଆଶାରେ ଏହି ଦିନ ଅନେକ ଧାର୍ମିକ ଲୋକ ଗଙ୍ଗାସାଗରରେ ବୁଡ଼ ପକାଇଥାନ୍ତି ।

ମକର ସଂକ୍ରାନ୍ତି ଦିନ ଅନେକ ସ୍ଥାନରେ ଗୁଡ଼ି ଉଡ଼ା ପ୍ରତିଯୋଗିତା ଆୟୋଜନ କରାଯାଇଥାଏ । ବିଶ୍ୱାସ କରାଯାଏ, ଏହି କାଳ ମଧ୍ୟରେ ମୃତୁ୍ୟବରଣ କରୁଥିବା ମନୁଷ୍ୟ ବିଷ୍ଣୁଲୋକରେ ସ୍ଥାନ ପାଇଥାଏ । ଏହି ପବିତ୍ର ଦିନରେ ଶ୍ରୀମନ୍ଦିରରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ଦ୍ୱାଦଶ ଯାତ୍ରା ମଧ୍ୟରେ ଅନ୍ୟତମ ‘ଉତ୍ତରାୟଣ ଯାତ୍ରା’ ବା ମକର ସଂକ୍ରାନ୍ତି ଉତ୍ସବ ମହାସମାରୋହରେ ପାଳିତ ହୋଇଥାଏ ।

ଭୋଗ:

ମକର ସଂକ୍ରାନ୍ତି ବେଳକୁ ଓଡ଼ିଶାରେ ଧାନ, ଆଖୁ ଆଦି ନୂଆଫସଲ ଅମଳ ହୋଇଥାଏ । ତେଣୁ ସେଦିନ ନୂଆ ଧାନରୁ ପ୍ରସ୍ତୁତ ଅପକ୍ୱ ଅରୁଆ ଚାଉଳ, ନୂଆଗୁଡ଼, ଛେନା, ନଡ଼ିଆ, ପାଚିଲା କଦଳୀ, ଘିଅ, କ୍ଷୀର ଇତ୍ୟାଦି ଗୋଳିଆ ଗୋଟିଏ ସୁମିଷ୍ଟ ଭୋଗ ପ୍ରସ୍ତୁତ କରି ଗୃହଦେବତାଙ୍କୁ ଓ ଧାନଖଳାରେ ଭୋଗ ଲଗାଯାଏ । ଏହି ଭୋଗ ‘ମକର ଚାଉଳ’ ଭାବେ ପରିଚିତ । ଏହି ଭୋଗ ଖିଆଖେଇ ହୋଇ ଲୋକେ ‘ମକର’ ବସନ୍ତି । କେତେକ ଅଞ୍ଚଳରେ ନୂଆଧାନର ଚାଉଳରେ ପ୍ରସ୍ତୁତ ପୋଡ଼ପିଠା ସହିତ ଗୁଡ, କଦଳୀ, ନଡ଼ିଆ ଓ ଅରୁଆଚାଉଳରେ ଭୋଗ କରାଯାଇ ଦେବାଦେବୀଙ୍କ ପାଖରେ ଦିଆଯାଏ । ସୂର୍ଯ୍ୟଙ୍କ ଯୋଗୁଁ କୃଷିକ୍ଷେତରେ ଶସ୍ୟ ଉତ୍ପନ ହେଉଥିବାରୁ କୃଷକମାନେ ମକରସଂକ୍ରାନ୍ତିର ପୂଣ୍ୟକାଳରେ ସୂର୍ଯ୍ୟଙ୍କୁ ନୂତନ ଶସ୍ୟ ଅର୍ପଣ କରି ପୂଜାର୍ଚ୍ଚନା କରିଥା’ନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.