ମାର୍ଗଶୀର ମାସ ଶେଷ ଗୁରୁବାର, ଜାଣନ୍ତୁ କାହିଁକି ଓଡ଼ିଆ ଘରେ ପାଳନ ହୁଏ ମାଣବସା ଗୁରୁବାର

ଓଡିଶା ହେଉଛି ଜାଗନ୍ନାଥଙ୍କ ରାଜ୍ୟ ବାର ମାସରେ ତେର ପର୍ବ ପାଳନ କରିଥାନ୍ତି ଓଡିଶାବାସୀ । ଆଉ ସେଥିରୁ ଅନ୍ୟତମ ହେଉଛି ମାର୍ଗଶୀର ମାସ ମାଣବସା ଗୁରୁବାର । ଆଜି ହେଉଛି ମାଣବସା ଗୁରୁବାରର ଶେଷ ପାଳି । ଧନଦାତ୍ରି ମା ଲକ୍ଷ୍ମୀଙ୍କୁ ମାର୍ଗଶିର ମାସ ଗୁରବାର ଦିନ ସଧବା ନାରୀ ମାନେ ଅଗଣାରେ ରଙ୍ଗବିରଙ୍ଗ ଝୋଟି ପକାଇ ନୂଆ ଲୁଗା ପରିଧାନ କରି ଘରେ ଧାନ ଖଟୁଲିକୁ ସୁସଜ୍ଜିତ କରି ମାଙ୍କୁ ଆବାହନ କରିଥାନ୍ତି । ଏଥି ପାଇଁ ଗାଁ ଠୁ ସହର ଚାରିଆଡେ ଉତ୍ସବର ପରିବେଶ । ପୁରାଣରେ ବର୍ଣିତ ଅଛି ମାଙ୍କ ର ଟିକେ କୃପା ମିିଳିଲେ ଗରିବ ଧନୀ ହୋଇଯାଏ । ଏଥିପାଇ ସଧବା ନାରୀ ନିଷ୍ଠା ର ସହ ଏହି ବ୍ରତ କରିଥାନ୍ତି । ଏ ପୂଜା ରେ ଜାତି,ଅଜାତି ନାହିଁ । ବ୍ରାହ୍ମଣ ଠାରୁ ଚଣ୍ଡାଳ ପର‌୍ୟ୍ୟନ୍ତ ସବୁ ଓଡ଼ିଆଙ୍କ ଘରେ ଏ ପର୍ବ ପାଳନ କରାଯାଏ । ମାର୍ଗଶୀର ମାସ ମାଣବସା ଗୁରୁବାର ୪ ବା ୫ ପାଳି ପଡିଥାଏ । ଏହା ଓଡ଼ିଆଙ୍କ ଛଡ଼ା ଅନ୍ୟ କେଉଁଠି ପାଳିତ ହେଉଥିବା ଦୃଷ୍ଟିଗୋଚର ହୁଏନାହିଁ।

ମାଣବସା ଗୁରୁବାର ଓଷା ପୂର୍ବଦିନ ରାତିରେ ଗୃହିଣୀମାନେ ଘରଦ୍ୱାର ଲିପାପୋଛା କରି ଝୋଟିଚିତା ପକାଇଥାନ୍ତି । ଘରର ପ୍ରତ୍ୟକ ଦୁଆର ଅଗଣା କାନ୍ଥ ଓ ଚାରିପାଖ ଝୋଟି ଚିତାଦ୍ୱାରା ସଜାଯାଇଥାଏ । ମାଣ ଖଟୁଲି ଉପରେ ଏକ ନୂଆ ମାଣରେ ଧଳାଧାନ ଭରି ରଖାଯାଏ । ଖଟୁଲିରେ ରଖି ତା ଉପରେ ଧାନର ମେଣ୍ଟାକୁ ରଖାଯାଏ । ନାଲିଛିଟ ଓ ସୁନ୍ଦର ପାଟକନାରେ ଓଢଣୀ ଦେଇ ଏହାକୁ ଏକ ନବ ବଧୂର ରୂପ ସଦୃଶ କରାଯାଏ । ମା’ଲକ୍ଷ୍ମୀଙ୍କର ଖଟୁଲି ବା ଆସ୍ଥାନ ଚାରିପଟେ ଷୋଳ ପାଖୁଡା ବିଶିଷ୍ଟ ଦିବ୍ୟ, ପଦ୍ମ ଅଙ୍କନ କରାଯାଇଥାଏ । ଘରର ଚତୁଃପାଶ୍ୱର୍ରୁ ମା’ଙ୍କର ପଦ୍ମ ପାଦର ଚିତା ଆସ୍ଥାନ ପର୍ଯ୍ୟନ୍ତ ଅଙ୍କାଯାଏ । ଲକ୍ଷ୍ମୀଙ୍କର ସ୍ଥାପନା ପାଇଁ ଠାକୁରଘରର ଏକ ସ୍ୱତନ୍ତ୍ର ସ୍ଥାନ ନିରୂପଣ କରାଯାଏ । ପୂଜା ପାଇଁ ପୂର୍ବରୁ ପ୍ରସ୍ତୁତ କରି ରଖାଯାଇଥାଏ ଅମଳ ହୋଇଥିବା ଶୁକ୍ଳଧାନ , ମାଣ, ଗୁଆ, କଉଡି, ନଡିଆ, ଦୁବ, ବରକୋଳି ପତ୍ର, ସିନ୍ଦୂର, ଧୂପଦୀପ ଓ ନୈବେଦ୍ୟ । ମାଣ ବସାଇବା ପୂର୍ବରୁ ସେହିମାଣକୁ ହଳଦୀ ପାଣିରେ ଧୋଇ ଖରାରେ ଶୁଖିଯିବା ପରେ ସିନ୍ଦୂର ବୋଳାଯାଏ । ବିଧି ଅନୁଯାୟୀ ଖଟୁଲି ଉପରେ ଲକ୍ଷ୍ମୀଙ୍କର କାଠରେ ନିର୍ମିତ ପ୍ରତିମା, ପାନିଆଁ, ଆଇନା, କଜ୍ଜଳ ଏବଂ ଖଟୁଲି ପାଖରେ ଆଖୁ, ମୂଳା ନିକଟରେ ରଖାଯାଇଥାଏ

img_4838

ଏଥି ସହିତ ମଣ୍ଡା ପିଠା ତିଆରି କରାଯାଇ ଭୋଗ ଦିଆଯାଇଥାଏ । ବିଭିନ୍ନ ପାଳିରେ ଭିନ୍ନ ଭିନ୍ନ ପିଠାପଣା ପ୍ରସ୍ତୁତ କରି ଲକ୍ଷ୍ମୀଙ୍କୁ ପାଖରେ ଲାଗି କରାଯାଇଥାଏ । ଲକ୍ଷ୍ମୀଙ୍କୁ ଧୂପ, ଦୀପ, ନେବେଦ୍ୟ ସହ ବାଳଭୋଗରେ ଛୋନା, ଗୁଡ଼, ନଡ଼ିଆ, କଦଳୀକୁ ଚକଟି ଭୋଗ ଲଗାଯାଏ । ଏହି ଭୋଗ ଘରର ପ୍ରତ୍ୟେକ ସଦସ୍ୟ ଖାଇଥାନ୍ତି । ଏହିଭୋଗକୁ ପରିବାର ଛଡ଼ା ଅନ୍ୟ କାହାକୁ ନଦେବାର ନିୟମ ଅଛି । ମାର୍ଗଶିର ମାସର ଶେଷ ଗୁରୁବାର ଦିନ ବ୍ରତ ସାରି ଉଜୁଆ ଯାଏ । ଏହି ଦିନ ପୂର୍ବଭଳି ସମସ୍ତ ନୀତିରେ ମାଣ ବସାଇ ମଣ୍ଡା ପିଠା ଓ ଖିରି ଭୋଗ କରାଯାଏ । ସଞ୍ଜ ଭୋଗ ପରେ ସେହି ମାଣରେ ଥିବା ଧାନକୁ ଆଉ ଏକ ଜାଗାରେ ଅଜାଡ଼ି ରଖାଯାଏ । ପୂଜାର ଅନ୍ୟ ସମସ୍ତ ସଜକୁ ନେଇ ପୋଖରୀ ଆଦି ଜଳାଶୟରେ ବିସର୍ଜନ କରାଯାଏ । ପୂଜାରେ ବ୍ୟବହୃତ ଧାନକୁ କୁଟି ସେହି ଚାଉଳରେ ଖିରି ବା ଜାଉ ରାନ୍ଧି କେବଳ ଘର ଲୋକଙ୍କ ମଧ୍ୟରେ ଖିଆଯାଏ । ଏହିପରି ଲକ୍ଷ୍ମୀଙ୍କୁ ଆବାହନ କରିବାଠାରୁ ବିସର୍ଜନ କରାଯିବା ପର୍ଯ୍ୟନ୍ତ ସମସ୍ତ ବିଧି ବିଧାନକୁ ପାଳନ କରି ଘରର ବିବିଧ ଉନ୍ନତି କାମନା କରାଯାଏ ।

IMG_20191205_104444

ପୌରାଣିକ କଥାବସ୍ତୁ ଅନୁଯାୟୀ ଏକଦା ମାଣବସା ଗୁରୁବାର ଦିନ ମା’ ଲକ୍ଷ୍ମୀ ସ୍ୱାମୀଙ୍କ ଠାରୁ ଅନୁମତି ନେଇ ନଗର ପରିଭ୍ରମଣରେ ବାହାରି ଗଲେ। ବ୍ରାହ୍ମଣୀ ରୂପରେ ସେ ଘର ଘର ବୁଲିଲେ । ଅନେକ ସ୍ଥାନ ବୁଲିବା ପରେ ସେ ଶ୍ରୀୟା ନାମକ ଜଣେ ଚଣ୍ଡାଳୁଣୀ ଘରେ ପହଞ୍ଚିଥିଲେ। ଘରଦ୍ୱାର ପରିଷ୍କାର କରି ଲିପାପୋଛା କରି ଶ୍ରୀୟା ତାଙ୍କ ପୂଜା ପାଇଁ ସଜ, ଭୋଗ-ନୈବେଦ୍ୟ ଆଦି ସଜାଡ଼ି ରଖୁଥିଲା । ଲକ୍ଷ୍ମୀ ତାହାଙ୍କ ଭକ୍ତିରେ ମନ୍ତ୍ରମୁଗ୍ଧ ହୋଇ ସେଠାରେ ହିଁ ରହିଗଲେ । ସେକାଳରେ ସମାଜରେ ଛୁଆଁ ଅଛୁଆଁ ଭେଦଭାବ ରହିଥିଲା। ଏହା ଦେଖିପ୍ରଭୁ ବଳରାମ କୋପ ପ୍ରକାଶ କଲେ । ଚଣ୍ଡାଳୁଣୀର ଘରେ ପାଦ ଦେଇଥିବାରୁ ବଡ଼ଦେଉଳ ଦ୍ୱାର ଲକ୍ଷ୍ମୀଙ୍କ ପାଇଁ ବନ୍ଦ ହୋଇଥିଲା । ପରେ ଅପମାନିତ ହୋଇ ମାଆ ମଧ୍ୟ ମନ୍ଦିରରୁ ବାହାରି ଗଲେ । ଲକ୍ଷ୍ମୀଙ୍କ ନିର୍ଦ୍ଦେଶରେ ସମୁଦ୍ର କୂଳରେ ବିଶ୍ୱକର୍ମା ଆଉ ଏକ ପ୍ରାସାଦ ଗଢ଼ିଦେଲେ । ତାଳ ବେତାଳଙ୍କୁ ଡକାଇ ମାଆ ବଡ଼ଦେଉଳରୁ ସବୁ ଜିନିଷ ଲୁଟିନେଇ ଶ୍ରୀମନ୍ଦିରକୁ ଶ୍ରୀହୀନ କରିଦେଲେ । ଖାଇବାକୁ ନପାଇ ଦୁଇଭାଇ ଭୋକରେ ଆଉଟୁ ପାଉଟୁ ହୋଇ ଶେଷରେ ସେହି ପ୍ରାସାଦ ସମ୍ମୁଖରେ ପହଞ୍ଚିଲେ। ପ୍ରାସାଦ ମାଲିକାଣୀଙ୍କ ଅତିଥେୟତାରେ ବିମୁଗ୍ଧ ହୋଇ ସେମାନେ ପ୍ରାସାଦ ମୁରବିଙ୍କୁ ଭେଟିବାକୁ ଚାହିଁଲେ। ଆଉ ପରିଚୟ ପାଇବା ପରେ ନିଜକୁ ଲଜ୍ଜିତ ମନେ କଲେ ଦୁଇ ଭାଇ। ଶୁଚିଶୁଦ୍ଧ ଲୋକର ଦ୍ୱାରକୁ ଯିବାକୁ ବାରଣ ନାହିଁ କି ଛୁଆଁ ଅଛୁଆଁ ଭେଦଭାବ ରହିବ ନାହିଁ ବୋଲି ପ୍ରତିଶ୍ରୁତି ପାଇବା ପରେ ଲକ୍ଷ୍ମୀ ଶ୍ରୀମନ୍ଦିରକୁ ବାହୁଡ଼ିଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.