ଆଜିଠୁ ଜନତା ମଇଦାନରେ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା, ଫେବୃଆରୀ ୧୨ ପର୍ଯ୍ୟନ୍ତ ଚାଲିବ

ଭୁବନେଶ୍ୱର (କେନ୍ୟୁଜ): ଆଜିଠୁ ଆରମ୍ଭ ହେବ ତୋଷାଳି ମେଳା। ଓଡ଼ିଶା ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ବାରା ଚଳିତ ବର୍ଷ ସପ୍ତଦଶ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଆଜିଠୁ ଆରମ୍ଭ ହୋଇ ଫେବୃଆରୀ ୧୨ ପର୍ଯ୍ୟନ୍ତ ଚାଲିବ । ଭୁବନେଶ୍ବର ଜନତା ମଇଦାନରେ ହେବ ତୋଷାଳି ମେଳା। ଏହି ମେଳାରେ ଦେଶର ବିଭିନ୍ନ ପ୍ରାନ୍ତରୁ କାରିଗର ଓ ବୁଣାକାରମାନେ ଅଂଶଗ୍ରହଣ କରିବେ ଏବଂ ସେମାନଙ୍କର ପାରମ୍ପରିକ ତଥା ସମସାମୟିକ ହସ୍ତତନ୍ତ ଓ ହସ୍ତଶିଳ୍ପ ଉତ୍ପାଦ ପ୍ରଦର୍ଶନ କରିବେ ।

ଏଥ୍ ସହିତ ବୁଣାକାର ଓ ହସ୍ତଶିଳ୍ପ କାରିଗରମାନଙ୍କ ଦ୍ୱାରା ପ୍ରସ୍ତୁତ ସାମଗ୍ରୀ ବିକ୍ରି ନିମନ୍ତେ ଆବଶ୍ୟକୀୟ ବଜାର ସୃଷ୍ଟି କରିବା ସହ ସେମାନଙ୍କୁ ସ୍ଵାବଲମ୍ବୀ କରିବା ନିମନ୍ତେ ଏହି ମେଳା ପ୍ରକୃଷ୍ଟ ମଞ୍ଚ ସାବ୍ୟସ୍ତ ହେବ । ଭାରତୀୟ ପାରମ୍ପରିକ କଳା, ହସ୍ତଶିଳ୍ପ ଏବଂ ହସ୍ତତନ୍ତର ସଂରକ୍ଷଣ କରିବା ଏବଂ କାରିଗର ଓ ବୁଣାକାରମାନଙ୍କ ସାମଗ୍ରୀର ପ୍ରସ୍ତୁତି କୌଶଳ ତଥା ସୃଜନାତ୍ମକ ଜଟିଳତାକୁ ଲୋକମାନଙ୍କ ସମ୍ମୁଖରେ ଉପସ୍ଥାପନ ମାଧ୍ୟମରେ ସଚେତନତା ସୃଷ୍ଟି କରିବା ଏହି ମେଳାର ଉଦ୍ଦେଶ୍ୟ । ଚଳିତ ବର୍ଷ ଏହି ମେଳାରେ ୫୬୦ ଜଣ କାରିଗର ଓ ବୁଣାକାର ଅଂଶଗ୍ରହଣ କରୁଛନ୍ତି ।

ଚଳିତ ବର୍ଷ ଗୋଟିଏ ଖାଦ୍ୟ ପ୍ରାଙ୍ଗଣରେ ୨୫ ଗୋଟି ଷ୍ଟଲ ରହିବ । ଓଡ଼ିଶାର ପାରମ୍ପରିକ ଖାଦ୍ୟ, ବିଭିନ୍ନ ରାଜ୍ୟର ସୁସ୍ୱାଦୁ ଖାଦ୍ୟ ମଧ୍ୟ ସ୍ଥାନ ପାଇବ । ଏହା ବ୍ୟତୀତ ମିଲେଟ୍ ମିଶନ, ଓମ୍‌ଫେଡ୍‌ ଏବଂ ଓଟିଡିସିର ୫ଟି ଷ୍ଟଲ ରହିବ । ଏହି ମେଳାରେ ପ୍ରତିଦିନ ସନ୍ଧ୍ୟା ୬ଟାରୁ ରାତି ୯.୩୦ ପର୍ଯ୍ୟନ୍ତ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହେବ । ଓଡ଼ିଶା ତଥା ଦେଶର ବିଭିନ୍ନ ପ୍ରାନ୍ତରୁ ଆମନ୍ତ୍ରିତ କଳାକାର ଓ କଳାକାର ସଂଗଠନଗୁଡ଼ିକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ । ଓଡ଼ିଶା ସଂଗୀତ ନାଟକ ଏକାଡେମୀ ସହଯୋଗରେ ସାଂସ୍କୃତିକ କାର୍ଯ୍ୟକ୍ରମଗୁଡ଼ିକ ପରିବେଷିତ ହେବ।

ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ଫେବୃଆରୀ ୧୨ ତାରିଖ ପର୍ଯ୍ୟନ୍ତ ଦିବା ୨.୩୦ରୁ ରାତି ୯.୩୦ ପର୍ଯ୍ୟନ୍ତ ଖୋଲାରହିବ । ଚଳିତ ବର୍ଷ ମେଳାରେ ୨୦ ଲକ୍ଷ ଜନସମାବେଶ ସହିତ ୨୦ କୋଟି ଟଙ୍କାର ସାମଗ୍ରୀ ବିକ୍ରିର ଲକ୍ଷ୍ୟ ରଖାଯାଇଛି । ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ସହିତ ଭାରତ ସରକାରଙ୍କ ହସ୍ତତନ୍ତ ମନ୍ତ୍ରଣାଳୟର ବିକାଶ ଆୟୁକ୍ତ(ହସ୍ତଶିଳ୍ପ) ଓ ବିକାଶ ଆୟୁକ୍ତ (ହସ୍ତତନ୍ତ)ଙ୍କ ସହଭାଗିତାରେ ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ (ସିଡାକ୍) ତରଫରୁ ଏହି ଜାତୀୟ ସ୍ତରର ମେଳାର ନମୁନା ପରିକଳ୍ପନା ଓ ପ୍ରଯୋଜନା କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.