ଓଡ଼ିଶାରେ ଖୋଲିବ ୮ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ
ଶିକ୍ଷାର ଭିତ୍ତିଭୂମିର ବିକାଶ ପାଇଁ ଓଡ଼ିଶାରେ ଖୋଲିବ ଆଉ ୮ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି (ସିସିଇଏ) ବୈଠକରେ ଏହି ନିଷ୍ପତ୍ତି ହୋଇଛି । ଅନୁଗୁଳ ଜିଲ୍ଲାର ତାଳଚେର ଓ ଆଠମଲ୍ଲିକ, ଢେଙ୍କାନାଳର କାମାକ୍ଷାନଗର, ଖୋର୍ଦ୍ଧା ଜିଲ୍ଲାର ଆଇଟିବିପି ଖୋର୍ଦ୍ଧା, କୋରାପୁଟ ଜିଲ୍ଲାର ଜୟପୁର, ବଲାଙ୍ଗୀର ଜିଲ୍ଲାର ରେଲଓ୍ୱେ ଟିଟିଲାଗଡ଼ ଓ ପାଟଣାଗଡ଼ରେ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନା ହେବ । ଏହି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବା ପାଇଁ ୫୮୭୨ କୋଟି ଟଙ୍କା ଓ ୨୮ଟି ନବୋଦୟ ସ୍କୁଲ ପ୍ରତିଷ୍ଠା ପାଇଁ ୨୩୫୯କୋଟି ଟଙ୍କା ଖର୍ଚ୍ଚ ହେବ । ଏହି ଖର୍ଚ୍ଚ ଭାରତ ସରକାର ବହନ କରିବେ ।
ସ୍ଥାନୀୟ ଲୋକମାନଙ୍କ ଦାବି ଓ ଆଶାଆକାଂକ୍ଷାକୁ ଦୃଷ୍ଟିରେ ରଖି ସରକାର ଏହି କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି । ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ଓଡ଼ିଶା ସମେତ ସମଗ୍ର ଦେଶରେ ଉତ୍ତମ ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ କରିବା ଏହାଦ୍ୱାରା ସହଜ ହେବ ।
ଓଡ଼ିଶା ସମେତ ଭାରତରେ ଶିକ୍ଷାର ବିକାଶ ଓ ଛାତ୍ରଛାତ୍ରୀମାନଙ୍କ ଉଜ୍ଜ୍ୱଳ ଭବିଷ୍ୟତ ଗଠନ କରିବା ଦିଗରେ ନିଷ୍ପତି ନେଇଥିବାରୁ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଜାତୀୟ ଶିକ୍ଷା ନୀତିର ପରାମର୍ଶ ଅନୁସାରେ ଓଡ଼ିଶା ସମେତ ସମଗ୍ର ଦେଶରେ ଉତ୍ତମ ଗୁଣାତ୍ମକ ମାନର ଶିକ୍ଷା ପ୍ରଦାନ କରିବା କେନ୍ଦ୍ର ସରକାରଙ୍କ ଲକ୍ଷ୍ୟ । ଏହାଦ୍ବାରା ବିଦ୍ୟାଳୟ ସ୍ତରରେ ଶିକ୍ଷାର ମାନରେ ଉନ୍ନତି ହେବ । ଛାତ୍ରଛାତ୍ରୀଙ୍କ ମାନସିକ, ଶାରିରୀକ, କ୍ରିଟିକାଲ ଥିଙ୍କିଂ ସହ ବୌଦ୍ଧିକ କ୍ଷମତା ବିକଶିତ ହେବ ବୋଲି ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।