ପୁଣି ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ କଠୋର ଆଭିମୁଖ୍ୟ: ଆଉ ୯ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର

ଭୁବନେଶ୍ବର: ପୁଣି ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୋଧରେ କଠୋର ଆଭିମୁଖ୍ୟ ଜାରି । ଆଉ ୯ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର । ରାଜ୍ୟ ସରକାର ଖଣି ବିଭାଗର ଜଣେ ଉପନିର୍ଦ୍ଦେଶକ ଓ ଶ୍ରମ ବିଭାଗର ଯୁଗ୍ମ କମିଶନରଙ୍କ ସମେତ ଜଙ୍ଗଲ, ଜନସ୍ୱାସ୍ଥ୍ୟ ବିଭାଗର ୯ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି ।

ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାର ଖଣି ବିଭାଗର ଜଣେ ଉପନିର୍ଦ୍ଦେଶକ ଓ ଶ୍ରମ ବିଭାଗର ଯୁଗ୍ମ କମିଶନରଙ୍କ ସମେତ ଜଙ୍ଗଲ, ଜନସ୍ବାସ୍ଥ୍ୟ, ଶ୍ରମ ବିଭାଗର ୯ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦେଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣଙ୍କ ବିରୁଦ୍ଧରେ ଦୁର୍ନୀତି ମାମଲା ଥିବାବେଳେ, ୨ ଜଣଙ୍କୁ ଅପାରଗତା ଯୋଗୁଁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଖଣି ବିଭାଗର ୨ ଜଣ ଅଧିକାରୀ ତଥା ବଲାଙ୍ଗୀର ମୂରିବାହଲ ଫରେଷ୍ଟ ରେଞ୍ଜ ଅଫିସର ଏବଂ ସୁନ୍ଦରଗଡ ଜିଲ୍ଲା ସାଧାରଣ ଜନସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଟ ଇଂଜିନିୟରଙ୍କୁ ଆଜି ବାଧ୍ୟତାମୂଳକ ଅବସର ଦିଆଯାଇଥିବାବେଳେ ଅନ୍ୟ ୫ ଜଣଙ୍କୁ କିଛି ଦିନ ତଳେ ବାଧ୍ୟତାମୂଳକ ଅବସର ଦିଆଯାଇଥିଲା।

ବାଧ୍ୟତାମୂଳକ ଅବସର ଦିଆଯାଇଥିବା ଅଧିକାରୀମାନେ ହେଲେ ଖଣି ବିଭାଗର ଉପନିର୍ଦ୍ଦେଶକ ଶ୍ରୀ ମଦନ ମୋହନ ବିଶ୍ବାଳ। ଶ୍ରୀ ବିଶ୍ବାଳଙ୍କ ବିରୁଦ୍ଧରେ ୯ଟି ଭିଜିଲାନ୍‌ସ କେସ୍‌ ରହିଛି । ତାଙ୍କର ସାଧୁତା ଅତ୍ୟନ୍ତ ସନ୍ଦେହଜନକ ଥିଲା । ସେହିପରି ସରକାରୀ କାର୍ଯ୍ୟରେ ତାଙ୍କର ଆନ୍ତରିକତା ଅଭାବ ରହିଥିଲା ଏବଂ ଜଣେ ସରକାରୀ ଅଧିକାରୀ ଭାବରେ ଆବଶ୍ୟକ ସୌଜନ୍ୟ ମଧ୍ୟ ସେ ରକ୍ଷା କରୁ ନଥିଲେ।

ଶ୍ରୀ ରମେଶ ଚନ୍ଦ୍ର ମହାଲିକ, ଖଣି ଅଧିକାରୀ ଗ୍ରୁପ-କ ପାହ୍ୟାର ଅଧିକାରୀ । ଶ୍ରୀ ମହାଲିକଙ୍କ ବିରୁଦ୍ଧରେ ୪ଟି ଭିଜିଲାନ୍‌ସ କେସ୍ ଥିବାବେଳେ ତାଙ୍କର ସାଧୁତା ମଧ୍ୟ ସନ୍ଦେହଜନକ ଥିଲା । ଜଣେ ସରକାରୀ ଅଧିକାରୀ ଭାବରେ ଆବଶ୍ୟକ ଆନ୍ତରିକତା ଓ ସୌଜନ୍ୟର ଅଭାବ ତାଙ୍କ ଠାରେ ଥିଲା ।

ବଲାଙ୍ଗୀର ମୂରିବାହାଲ ଫରେଷ୍ଟ ରେଞ୍ଜ ଅଫିସର ଶ୍ରୀ ପ୍ରଶାନ୍ତ କୁମାର ନାୟକ। ୧ କୋଟି ୪୦ ଲକ୍ଷ ଟଙ୍କାର ଆୟବହିର୍ଭୁତ ସଂପତ୍ତି ସହିତ ବଲାଙ୍ଗୀର ଜିଲ୍ଲାରେ ତାଙ୍କର ୧୦ଟି ପ୍ଲଟ ଓ ୨ଟି କୋଠା ମଧ୍ୟ ଠାବ କରାଯାଇଥିଲା । ସେଥିପାଇଁ ତାଙ୍କ ନାମରେ ଭିଜିଲାନ୍‌ସ ମାମଲା ରହିଛି ।

ସେହିପରି ସୁନ୍ଦରଗଡ ଜିଲ୍ଲା ସାଧାରଣ ଜନସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଟ ଇଂଜିନିୟର ଶ୍ରୀ ନାରାୟଣ ପ୍ରଧାନଙ୍କ ବିରୁଦ୍ଧରେ ଭିଜିଲାନ୍‌ସ ମାମଲା ରହିଛି । ତାଙ୍କର ଆୟ ବହିର୍ଭୂତ ୨ କୋଟି ୨୦ ଲକ୍ଷ ଟଙ୍କାର ସଂପତ୍ତି ସହିତ ଦେଓଗଡ ଜିଲ୍ଲାରେ ୪ଟି କୋଠା, ସମ୍ବଲପୁର, ଦେଓଗଡ, ଅନୁଗୁଳ ଓ ଖୋର୍ଦ୍ଧା ଜିଲ୍ଲାରେ ୩୧ଟି ଜମି ମଧ୍ୟ ରହିଛି ।

ଜଂଗଲ ବିଭାଗର ସହକାରୀ ବନ ସଂରକ୍ଷକ ଶ୍ରୀ ଲକ୍ଷ୍ଣଣ କୁମାର ପ୍ରଧାନଙ୍କ ବିରୁଦ୍ଧରେ ୨ଟି ଭିଜିଲାନ୍‌ସ କେସ ରହିଛି । ଶ୍ରୀ ଭରତ କୁମାର ଘଡେଇ ଜଙ୍ଗଲ ବିଭାଗର ରେଞ୍ଜ ଅଫିସରଙ୍କ ବିରୁଦ୍ଧରେ ୩ଟି ଭିଜିଲାନ୍‌ସ କେସ୍ ରହିଛି । ଶ୍ରୀ ପ୍ରଦୀପ କୁମାର ଭୋଇ, ରାୟଗଡା ଜିଲ୍ଲା ଶ୍ରମ ଅଧିକାରୀଙ୍କ ବିରୁଦ୍ଧରେ ଗୋଟିଏ ଭିଜିଲାନ୍‌ସ କେସ ରହିଛି । ଏ ସମସ୍ତଙ୍କୁ ଦୁର୍ନୀତି ଅଭିଯୋଗରେ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସେହିପରି ଭୁବନେଶ୍ବରର ଯୁଗ୍ମ ଶ୍ରମ କମିଶନର ଶ୍ରୀ ଶରତ କୁମାର ଚୌଧୁରୀ ଏବଂ ଗଜପତି ଜିଲ୍ଲାର ଡିଭିଜିନାଲ ଶ୍ରମ କମିଶନର ଶ୍ରୀମତୀ ନମିତା ଦାସଙ୍କୁ ଅପାରଗତା ଯୋଗୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଉପରୋକ୍ତ ୯ ଜଣ ଅଧିକାରୀଙ୍କ ସମେତ ଏପର୍ଯ୍ୟନ୍ତ ୧୧୩ଜଣଙ୍କୁ ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.