ସକ୍ରିୟ ରହିଛି ମୌସୁମୀ, ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଆହୁରି ୩ ଦିନ ପ୍ରବଳ ବର୍ଷିବ । ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ଲଘୁଚାପ ଦୁର୍ବଳ ହୋଇଥିବା ବେଳେ ଝାଡ଼ଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ଆଗାମୀ ୩ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ମଧ୍ୟ ସମ୍ଭାବନା ରହିଛି । ଆସନ୍ତା ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୮ ଜିଲ୍ଲା ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଦେବଗଡ଼, କଟକ, ଜଗତସିଂହପୁର, ବୌଦ୍ଧ ଏବଂ କେନ୍ଦ୍ରାପଡ଼ାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲାମାନଙ୍କର ଗୋଟିଏ ଦୁଇଟି ସ୍ଥାନରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ।

ସେହିପରି ପ୍ରବଳ ବର୍ଷା ପାଇଁ ୧୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲା ବାଲେଶ୍ବର, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଭଦ୍ରକକୁ ୟେଲୋ ୱାର୍ଣ୍ଣିଂ ଓ ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ଚେତାବନୀ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର। ଚଳିତ ମୌସୁମୀ ଋତୁରେ ଏଯାଏ ରାଜ୍ୟରେ ୩୮୮. ୬ ମିଲିମିଟର ବର୍ଷା ରେକର୍ଡ ହୋଇଛି। ଏହି ସମୟରେ ସ୍ବାଭାବିକ ବୃଷ୍ଟିପାତ ୪୫୮. ୮ ମିଲିମିଟର ତୁଳନାରେ ୧୫ ପ୍ରତିଶତ କମ୍ । ମାଲକାନଗିରିରେ ସର୍ବାଧିକ, କୋରାପୁଟରେ ଅତ୍ୟଧିକ, ୧୩ଟି ଜିଲ୍ଲାରେ ସ୍ବାଭାବିକ ଓ ୧୫ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି ।

You might also like