ପୁରୀ : ଆଉ ଗୋଟିଏ ଦିନ ପରେ ନବଦିନାତ୍ମକ ଯାତ୍ରା ସାରି ରତ୍ନସିଂହାସନକୁ ବାହୁଡ଼ିବେ ମହାପ୍ରଭୁ । ଆଜି ସକାଳୁ ତିନି ରଥ ଉପରେ ମହାପ୍ରଭୁଙ୍କ ମଙ୍ଗଳଆଳତି ବଢିବା ପରେ ଅନ୍ୟାନ୍ୟ ନୀତି ଚାଲୁରହିଛି । ରଥ ଉପରେ ମହାପ୍ରଭୁଙ୍କୁ ଦର୍ଶନ କରିବା ପାଇଁ ହଜାର ହଜାର ଭକ୍ତଙ୍କ ଭିଡ଼ ଲାଗିଛି। ପରମ୍ପରା ଅନୁଯାୟୀ ସନ୍ଧ୍ୟାରେ ତିନି ରଥ ଉପରେ ମହାପ୍ରଭୁଙ୍କ ଅଧରପଣା ନୀତି ଅନୁଷ୍ଠିତ ହେବ । ତିନିରଥକୁ ସ୍ୱତନ୍ତ୍ର ଉପଚାରରେ ପୂଜା କରାଯାଇ ପ୍ରସ୍ତୁତ କରାଯାଇଥିବା ସମୟରେ ରଥରେ ବହୁ ଦେବା ଦେବୀ ବିରାଜମାନ କରିଥାନ୍ତି । ପବିତ୍ର ଶ୍ରୀଗୁଣ୍ଡିଚା ଯାତ୍ରା ସମ୍ପନ୍ନ ହେବା ପରେ ସମସ୍ତ ପାର୍ଶ୍ୱ ଦେବଦେବୀ ଓ ଅନ୍ୟାନ୍ୟ ଚଣ୍ଡୀ ଚାମୁଣ୍ଡାଙ୍କୁ ଶାନ୍ତି କରିବା ପାଇଁ ଅଧରପଣା କରାଯାଇ ଅଧର ହାଣ୍ଡିକୁ ରଥ ଉପରେ ଭଙ୍ଗା ଯିବାର ବିଧି ରହିଛି । ବଡଓଡ଼ିଆ ମଠ, ରାଘବଦାସ ମଠ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରଦତ୍ତ ଛେନା ,ଛାଚି , କ୍ଷୀର ,ସର,ଗୋଲମରିଚ ,କର୍ପୁର ,ଜାଇଫଳ,କଦଳୀ ଆଦିକୁ ମିଶ୍ରଣ କରାଯାଇ ପଣା ପ୍ରସ୍ତୁତ କରାଯାଇଥାଏ। ସ୍ୱତନ୍ତ୍ର ଭାବେ ଏହି ପଣାକୁ ଶ୍ରୀବିଗ୍ରହ ମାନଙ୍କର ଅଧର ପର୍ଯ୍ୟନ୍ତ ନିର୍ମିତ ତିନି ତିନଟି ତୁମ୍ଭାକାର ହାଣ୍ଡିରେ ପ୍ରସ୍ତୁତ କରାଯାଇଥାଏ । ମଧ୍ୟାହ୍ନ ଧୂପ ପରେ ଅଧର ପଣା ନୀତି ଅନୁଷ୍ଠିତ ହେବ ।
ସେପଟେ ଗତକାଲି ୧୩୮ ପ୍ରକାରର ସ୍ୱର୍ଣ୍ଣ ଅଳଙ୍କାରରେ ଆଭୁଷିତ ହୋଇ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ମହାବାହୁ। ମହାପ୍ରଭୁଙ୍କ ଏହି ଆକର୍ଷଣୀୟ ବେଶ ଦେଖିବାକୁ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ଼ ଲାଗିଥିଲା। ରାତି ୧ଟାରେ ସୁନାବେଶ ଓଲାଗି କରାଯିବା ପରେ ରାତ୍ର ପହୁଡ଼ କରାଯାଇଥିଲା । ସୁନାବେଶ ପାଇଁ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଥିଲା।