ରାଜ୍ଯର ବିଭିନ୍ନ ସ୍ଥାନରେ ହାଲ୍‌କା ବର୍ଷା ସାଙ୍ଗକୁ କୋହଲା ପାଗ ଅନୁଭୂତ

ଭୁବନେଶ୍ବର : ରାଜ୍ୟର ଦକ୍ଷିଣ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡ଼ିକର ଅଧିକାଂଶ ସ୍ଥାନରେ ବର୍ଷା ହୋଇଥିବା ବେଳେ ଉତ୍ତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ପାଗ ଏଭଳି ରହିବ ବୋଲି କହିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଗତକାଲି ଉପକୂଳ ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ଏବେ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ରହିଛି। ଏହାର ପ୍ରଭାବରେ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉତ୍ତର ଆଭ୍ୟନ୍ତରୀଣ ଓ ଦକ୍ଷିଣ ଉପକୂଳ ଓଡ଼ିଶାର କିଛି କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି।

କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ଓ କୋରାପୁଟ ଜିଲ୍ଲାର ଲମତାପୁଟରେ ୩୦ ମିମି ଲେଖାଏଁ ବର୍ଷା ‌ରେକର୍ଡ ହୋଇଥିବା ବେଳେ କଳାହାଣ୍ଡି, ସୋନପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଦେବଗଡ଼ ଓ ନୂଆପଡ଼ା ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ବର୍ଷା ହୋଇଥିବା ଜଣାପଡ଼ିଛି। ବର୍ଷା ଯୋଗୁଁ ରାଜ୍ୟର ସର୍ବନିମ୍ନ ତାପମାତ୍ରାରେ ବୃଦ୍ଧି ଘଟିଛି ଓ ଶୀତ କମିଛି। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ପାଗ କୋହଲା ରହିବ ଓ କିଛି କିଛି ସ୍ଥାନରେ ବର୍ଷା ହେବାର ବି ସମ୍ଭାବନା ରହିଛି ବୋଲି କହିଛି ପାଣିପାଗ ବିଜ୍ଞାନ କେନ୍ଦ୍ର।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.