ଦୁଇ ବର୍ଷ ପରେ ଆଜି ବାଜିଛି ସ୍କୁଲ ଘଣ୍ଟା, ମିଳିମିଶି ପାଠପଢା କ୍ଷତିକୁ ଭରଣ କରିବା: ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ): ପ୍ରାୟ ୨ବର୍ଷ ପରେ ସ୍କୁଲ ଖୋଲିବା ପରେ ଛାତ୍ରଛାତ୍ରୀଙ୍କୁ ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସ୍କୁଲ ଖୋଲିଥିବାରୁ ପିଲାଙ୍କ ଖୁସିରେ ମୁଁ ବି ବହୁତ ଖୁସି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରାୟ ଦୁଇ ବର୍ଷ ପରେ ଆଜି ରାଜ୍ୟରେ ସ୍କୁଲ ଖୋଲିଛି। ଅଷ୍ଟମ ଠାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ଖୋଲିଥିବା ବେଳେ ପ୍ରଥମରୁ ସପ୍ତମ ପର୍ଯ୍ୟନ୍ତ ୧୪ ତାରିଖରେ ଖୋଲିବ। ଆଜି ଆମ ସମସ୍ତଙ୍କ ପାଇଁ ଏକ ଐତିହାସିକ ଦିନ ବୋଲି ସେ କହିଛନ୍ତି। ପ୍ରାୟ ଦୁଇ ବର୍ଷ ପରେ ଆଜି ସ୍କୁଲ ଘଣ୍ଟା ବାଜିଲା। ପିଲାମାନେ ସ୍କୁଲ ଗଲେ। ମହାପ୍ରଭୁଙ୍କ ଆଶୀର୍ବାଦ, ଆପଣମାନଙ୍କ ସହଯୋଗ ଓ କୋଭିଡ ଯୋଦ୍ଧାଙ୍କ ତ୍ୟାଗ ଯୋଗୁ ଏହା ସମ୍ଭବ ହୋଇପାରିଛି ବୋଲି ସେ କହିଛନ୍ତି। ସ୍କୁଲ ଖୋଲିବା ସ୍ୱାଭାବିକ ଅବସ୍ଥାକୁ ଫେରିବାର ଶୁଭ ସୂଚନା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପିଲାମାନଙ୍କୁ ଭୟଭୀତ ନହେବାକୁ ପରାମର୍ଶ ଦେଇଛନ୍ତି।

ସତର୍କ ରହି କୋଭିଡ ଗାଇଡଲାଇନ ଠିକ୍‌ ଭାବରେ ପାଳନ କରିବାକୁ ପରାମର୍ଶ ଦେଇଛନ୍ତି। ସ୍କୁଲ ସମୟରେ ଓ ବାହାରେେ ମାସ୍କ ଠିକ୍‌ ଭାବରେ ପିନ୍ଧିବା, ବାରମ୍ବାର ସାବୁନରେ ହାତ ଧୋଇବାକୁ ପରାମର୍ଶ ଦେଇଛନ୍ତି। ପାଠପଢାରେ ଯାହା କିଛି କ୍ଷତି ହୋଇଛି, ତାକୁ ପୂରଣ କରିବାକୁ ଦିନରାତି ପରିଶ୍ରମ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ଵାନ ଦେଇଛନ୍ତି। ପିଲାଙ୍କ ବିନା ସ୍କୁଲ ପ୍ରାଣହୀନ। ବହୁ ଦିନ ପରେ ସ୍କୁଲ ଆଜି ପୁଣି ଚଳଚଞ୍ଚଳ ହୋଇଛି। ସ୍କୁଲ ପରିଚାଳନା ବୋର୍ଡକୁ ପିଲାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି।

ଏହାସହ ପିତାମାତା ଓ ଅଭିଭାବକ ମାନେ ପିଲାଙ୍କୁ ସ୍କୁଲ ଛାଡନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି। ଭଲ ଭାବରେ ମାସ୍କ ପିନ୍ଧାଇ ଛାଡିବା ସହ କୋଭିଡ ଗାଇଡଲାଇନ ଠିକ୍‌ ଭାବରେ ପାଳନ କରିବାକୁ ପିଲାମାନଙ୍କୁ ଉତ୍ସାହିତ କରିବାକୁ ମୁଖ୍ୟମନ୍ତ୍ରୀ ଅଭିଭାବକମାନଙ୍କୁ ଅନୁରୋଧ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.