Below header

ଖବରକାଗଜ ବିତରକଙ୍କୁ ସ୍ୱତନ୍ତ୍ର କୋଭିଡ ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ: ପ୍ରତି ହକରଙ୍କୁ ୬ ହଜାର ଟଙ୍କାର ଆର୍ଥିକ ସହାୟତା

କେନ୍ୟୁଜ୍(ବ୍ୟୁରୋ):  ହକରଙ୍କୁ ହକ୍‌ । ଖବରକାଗଜ ବିତରକଙ୍କୁ ସ୍ୱତନ୍ତ୍ର କୋଭିଡ ଆର୍ଥିକ ସହାୟତା । ହକରମାନଙ୍କୁ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇ ସେମାନଙ୍କୁ ସ୍ୱତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିବା ସହିତ ଅଣସଂଗଠିତ କ୍ଷେତ୍ର ସାମାଜିକ ସୁରକ୍ଷା ଯୋଜନାରେ ସାମିଲ କରିଛନ୍ତି । ୬ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ସହାୟତା ପାଇଁ ରାଜ୍ୟର ୭୩୦୦ ହକରଙ୍କ ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଡିଜିଟାଲ ଡାଟା ବେସ୍‌ ପ୍ରସ୍ତୁତ କରାଯାଇ ପଞ୍ଜୀକୃତ କରାଯାଇଛି । ପ୍ରତ୍ୟେକ ପଞ୍ଜୀକୃତ ହକର ୬୦୦୦ ଟଙ୍କା ଲେଖାଏ ସହାୟତା ପାଇଛନ୍ତି ।

ସମୁଦାୟ ୪ କୋଟି ୩୮ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରାଯାଇଛି । ଏହା ସିଧାସଳଖ ସେମାନଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଯାଇଛି । ଏହି ସହାୟତା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ପ୍ରଦାନ କରାଯାଇଛି । ହକରଙ୍କ ପାଇଁ ଏଭଳି ଯୋଜନା ସାରା ଭାରତରେ ପ୍ରଥମ । ସେହିପରି ହକରଙ୍କ କାମ କରିବା ପାଇଁ ଓ୍ଵାର୍କସେଡ୍‌ ପ୍ରସ୍ତୁତ ହେବ। ଏଥିପାଇଁ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଡାଟାବେସ୍‌ ପ୍ରସ୍ତୁତି କରାଯିବ। ହକରଙ୍କ ଦୁର୍ଘଟଣା ଜନିତ ମୃତ୍ୟୁ କ୍ଷେତ୍ରରେ ୨ ଲକ୍ଷ ଟଙ୍କା ସହାୟତା ସହ ସ୍ୱାଭାବିକ ମୃତ୍ୟୁ କ୍ଷେତ୍ରରେ ୧ ଲକ୍ଷ ଟଙ୍କା ସହାୟତା ଯୋଗାଇ ଦିଆଯିବ । ଦୁର୍ଘଟଣା ଯୋଗୁ ସମ୍ପୂର୍ଣ୍ଣ ଅକ୍ଷମ ହୋଇଥିବା ହକରମାନଙ୍କୁ ଦେଢ଼ ଲକ୍ଷ ଟଙ୍କା ମିଳିବ । ଏହି ସହାୟତା ପ୍ରଦାନ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ହକରମାନେ ହେଉଛନ୍ତି ଖବର କାଗଜ ଓ ପାଠକମାନଙ୍କ ମଧ୍ୟରେ ସେତୁ । ଖରା, ବର୍ଷା, ଶୀତ ସବୁ ସମୟରେ ଏପରିକି କୋଭିଡ ମହାମାରୀ ସମୟରେ ମଧ୍ୟ ସେମାନେ ନିଜ ଦୁଃଖ କଷ୍ଟକୁ ଭୁଲି ପାଠକମାନଙ୍କୁ ଖବର କାଗଜ ଯୋଗାଇଛନ୍ତି । ଡିଜିଟାଲ ଯୁଗରେ ମଧ୍ୟ ଖବର କାଗଜର ଚାହିଦା କମି ନାହିଁ ବୋଲି ସେ କହିଛନ୍ତି ।.. .

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.