ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ଆଜି ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା । ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର ଓ ଭଦ୍ରକ ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଏପରିକି ୨୦ ସେମି ପର୍ଯ୍ୟନ୍ତ ବର୍ଷିପାରେ । ସେହିପରି କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର କେନ୍ଦୁଝର,ବରଗଡ଼, ଦେବଗଡ଼ ଓ ଅନୁଗୁଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ତଳିଆ ଅଞ୍ଚଳ ଜଳାର୍ଣ୍ଣବ ହେବ । ରାସ୍ତା ଓ ଡ୍ରେନ୍ ବୁଡ଼ି ଯାଇପାରେ । ଏଥିପାଇଁ ଅତ୍ୟଧିକ ବର୍ଷା ହେବାକୁ ଥିବା ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଆଲର୍ଟ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି ।
ସେହିପରି ରାସ୍ତା ବା ପୋଲ ଉପରେ ପାଣି ଚାଲୁଥିବା ବେଳେ ସେହି ବାଟ ଦେଇ ନଯିବାକୁ ଅନୁରୋଧ କରାଯାଇଛି । ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ । ୨୦ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ। ସମୁଦ୍ର ଅଶାନ୍ତ ରହୁଥିବାରୁ ଆଜିଠୁ ୨୦ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଯିବାକୁ ବାରଣ କରାଯାଇଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିବ।