ଆଜିଠୁ ୪ଦିନ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା
ଭୁବନେଶ୍ୱର: ଆଜିଠୁ ୪ଦିନ ଯାଏ ବର୍ଷା । ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ତେବେ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହେବ କି ନାହିଁ ସେନେଇ ପାଣିପାଗ ବିଭାଗ କିଛି ସ୍ପଷ୍ଟ କରିନାହିଁ । ରାଜ୍ୟକୁ ମୌସୁମୀ ଛୁଇଁବା ପରେ ଏହା ପ୍ରଥମ ଘୂର୍ଣ୍ଣିବଳୟ ।
ଆଜି ଗଞ୍ଜାମ, ଗଜପତି , ରାୟଗଡ଼ା. କନ୍ଧମାଳ, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବଲାଙ୍ଗୀର, ନୂଆପଡ଼ା ଓ ବରଗଡ଼ରେ ପ୍ରବଳ ବର୍ଷା ହୋଇପାରେ ।
୨୯ ତାରିଖରେ ମଧ୍ୟ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ନିଅଣ୍ଟିଆ ବର୍ଷା ପରିମାଣ ୪୨ ପ୍ରତିଶତ ରହିଛି ।