Below header

ବନ୍ୟା ବେଳେ ଆସୁଛି ବଡ଼ ବର୍ଷା! ଆଗାମୀ ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା , ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର (କେନ୍ୟୁଜ): ଆସୁଛି ବଡ଼ ବର୍ଷା । ରାଜ୍ୟରେ ବନ୍ୟା ସ୍ଥିତି ଧୀରେ ଧୀରେ ସୁଧୁରୁଥିବା ବେଳେ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆଗାମୀ ୨୪ ଘଣ୍ଟା ପାଇଁ ପ୍ରବଳରୁ ଅତି ପ୍ରବଳ ସମ୍ଭାବନା ଥିବା ମୟୂରଭଞ୍ଜ, ବାଲେଶ୍ୱର,ଭଦ୍ରକ ଓ କେନ୍ଦୁଝର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ବର୍ଷା ହୋଇପାରେ । ଫଳରେ ସୁବର୍ଣ୍ଣରେଖା, ବୁଢ଼ାବଳଙ୍ଗ ଓ ବୈତରଣୀ ଅବବାହିକାରେ ଜଳସ୍ତର ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଅତି ପ୍ରବଳ ବର୍ଷା ଯୋଗୁ ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ଆଶଙ୍କା ସହ ତଳିଆ ଅଞ୍ଚଳରେ ସାମୟିକ ଜଳବନ୍ଦୀ ପରିସ୍ଥିତି ଉପୁଜିପାରେ ।

ସେହିପରି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେହିପରି ପ୍ରବଳ ବର୍ଷା ସମ୍ଭାବନା ଥିବା ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଏପଟେ ପୂର୍ବକେନ୍ଦ୍ରୀୟ ଓ ମିଆଁମାର ଅଞ୍ଚଳରେ ସକ୍ରିୟ ଘୂର୍ଣ୍ଣିବଳୟ ଆଜି ଉତ୍ତରପୂର୍ବ ବଙ୍ଗୋପସାଗର ଓ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ବାୟୁମଣ୍ଡଳରେ ସମୁଦ୍ର ପତ୍ତନଠାରୁ ୫.୮ କିମି ଯାଏ ବ୍ୟାପିଛି । ଆସନ୍ତା ୨୯ ତାରିଖରେ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ହେଲେ ଏନେଇ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କିଛି ସ୍ପଷ୍ଟ କରାଯାଇନାହିଁ ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.