ଭୁବନେଶ୍ୱର : ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ । ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ କ୍ଷେତ୍ର ରହିଥିବା ବେଳେ ୧୯ତାରିଖ ବେଳକୁ ଏହା ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ । ବାଂଲାଦେଶ ଓ ସଂଲଗ୍ନ ପଶ୍ଚିମବଙ୍ଗ ଗାଙ୍ଗେୟ ଅଞ୍ଚଳରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଏହାର ପ୍ରଭାବରେ ଆଗାମୀ ୪ଦିନ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । ଆଗାମୀ ୨୪ ଘଣ୍ଟାରେ ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ନୂଆପଡ଼ା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ୬ ଜିଲ୍ଲା ଓ ୧୯ ତାରିଖରେ ମଧ୍ୟ ୬ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି। ସମୁଦ୍ର ଅଶାନ୍ତ ରହୁଥିବାରୁ ଆସନ୍ତା ୨୦ ତାରିଖ ଯାଏ ମତ୍ସ୍ୟଜୀବୀଙ୍କୁ ବଙ୍ଗୋପସାଗର ଯିବାକୁ ବାରଣ କରାଯାଇଛି ।
ସେପଟେ ପ୍ରବଳ ବର୍ଷା ପାଇଁ ଆଲର୍ଟ ଜାରି ହୋଇଥିବା ଜିଲ୍ଲାପାଳଙ୍କୁ ଆଲର୍ଟ କରିଛନ୍ତି ସ୍ବତନ୍ତ୍ର ରିଲିଫ କମିଶନର । ପ୍ରବଳ ବର୍ଷା ଯୋଗୁ ତଳିଆ ଅଞ୍ଚଳ ଓ ରାସ୍ତା ଜଳାର୍ଣ୍ଣବ ହୋଇପାରେ । ସେହିପରି ପୌରାଞ୍ଚଳରେ ଡ୍ରେନରୁ ପାଣି ନିଷ୍କାସନ ପାଇଁ ପମ୍ପ ମହଜୁଦ ରଖିବାକୁ କୁହାଯାଇଛି ।