ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ୍‌ ପୂର୍ବରୁ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ୧୨ଟି ବିଭାଗର ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର(କେନ୍ୟୁଜ୍): ମେକ୍‌ ଇନ୍‌ ଓଡ଼ିଶା କନକ୍ଲେଭ୍‌ ପୂର୍ବରୁ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି । ୧୨ଟି ବିଭାଗର ୧୭ଟି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି । ଓଡ଼ିଶା ପୋଷାକ ଓ ବୈଷୟିକ ବୟନଶିଳ୍ପ ନୀତି ୨୦୨୨କୁ ଅନୁମୋଦନ ମିଳିଛି । ଏହାଦ୍ୱାରା ଓଡ଼ିଶାରେ ଅଧିକରୁ ଅଧିକ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ । ତାସହ ଆନୁସଙ୍ଗିକ ଶିଳ୍ପ ପ୍ରତିଷ୍ଠାରେ ସହାୟକ ହେବ । ଏହି ନୀତିରେ ପୁଞ୍ଜି ବିନିଯୋଗ ସହାୟତା, ନିଯୁକ୍ତି ସହାୟତା ତଥା ବଜାର ବିକାଶ ସହାୟତା ନିମନ୍ତେ ପ୍ରୋତ୍ସାହନର ବ୍ୟବସ୍ଥା ରହିଛି ।

ଓଡିଶାରେ ସଂଯୋଜନ କ୍ଷେତ୍ରର ବିକାଶ ପାଇଁ ଓଡିଶା ଲଜିଷ୍ଟିକ ପଲିସି-୨୦୨୨କୁ ଅନୁମୋଦନ ମିଳିଛି । ଏହା ବାଣିଜ୍ୟ ଓ ବାଣିଜ୍ୟ ପାଇଁ ଉପଯୁକ୍ତ ଗନ୍ତବ୍ୟସ୍ଥଳ ଭାବରେ ରାଜ୍ୟର ସ୍ଥିତିକୁ ସୁଦୃଢ କରିବ । ଯୋଗାଣ ଶୃଙ୍ଖଳକୁ ମଧ୍ୟ ମଜବୁତ କରିବ । ଏଥିରେ ସବୁଜ ଇନ୍ଧନର ବ୍ୟବହାରକୁ ମଧ୍ୟ ପ୍ରତ୍ସୋହନ କରାଯାଇଛି ।

ଓଡ଼ିଶା ରପ୍ତାନୀ ପଲିସି-୨୦୨୨କୁ ମଞ୍ଜୁରୀ ଦେଇଛି ରାଜ୍ୟ କ୍ୟାବିନେଟ୍‌ । ରପ୍ତାନୀ ପ୍ରତିଯୋଗିତାରେ ଉନ୍ନତି ଆଣିବା ସହ ଓଡିଶାକୁ ଭାରତର ୫ଟି ଶ୍ରେଷ୍ଠ ରାଜ୍ୟରେ ସାମିଲ କରିବା ଲକ୍ଷ୍ୟ ରହିଛି । ୨୦୨୬-୨୭ ସୁଦ୍ଧା ୩.୫ ଲକ୍ଷ କୋଟି ଟଙ୍କାର ରପ୍ତାନୀ ଲକ୍ଷ୍ୟ ରଖାଯାଇଛି ।

ଅମଳ ପରବର୍ତ୍ତୀ ପରିଚାଳନା ଓ ଉଦ୍ୟାନ କୃଷିର ଅମଳ ପରବର୍ତ୍ତୀ ବିପଣନରେ ସହାୟତା ଯୋଜନା ପ୍ରସ୍ତାବରେ ମୋହର ମାରିଛି ରାଜ୍ୟ କ୍ୟାବିନେଟ୍‌ । ଅମଳ ପରବର୍ତ୍ତୀ କ୍ଷତି ଓ ଉଦ୍ୟାନ କୃଷି ଉତ୍ପାଦର ବ୍ରାଣ୍ଡିଂ, ପ୍ୟାକେଜିଂ ଓ ମାର୍କେଟିଂ କ୍ଷେତ୍ରକୁ ସହାୟତା ଯୋଗାଇବା ସହ କୃଷକଙ୍କୁ ଆର୍ଥିକ ସହାୟତା ଦିଆଯିବ । ଏହା ଗ୍ରାମାଞ୍ଚଳରେ ଚାଷୀଙ୍କ ରୋଜଗାର ବୃଦ୍ଧି ସହିତ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ । ଉଦ୍ୟାନ କୃଷିର ଦ୍ରୁତ ଆଧୁନିକୀକରଣରେ ସହାୟକ ହେବ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.