ଆଜି ଶ୍ରୀଜୀଉଙ୍କ ବନକ ଲାଗି ନୀତି, ସନ୍ଧ୍ୟା ୫ରୁ ରାତି ୯ ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ : ଆଜି ଶ୍ରୀଜୀଉଙ୍କ ବନକ ଲାଗି ନୀତି । ଆଶ୍ବିନ ଶୁକ୍ଲ ଚତୁର୍ଦ୍ଦଶୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ବିତୀୟ ଭୋଗମଣ୍ଡପ ଶେଷ ହେବା ପରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ । ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ବନ୍ଦ ରହିବ ସାଧାରଣ ଦର୍ଶନ ।  ଦ୍ବିପହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ।

ପରମ୍ପରା ଅନୁଯାୟୀ ବୁଧବାର କିମ୍ବା ଗୁରୁବାର ଦିନ ମହାପ୍ରଭୁଙ୍କ ବନକ ଲାଗି ନୀତି ହୋଇଥାଏ ।  ଏହା ଏକ ଗୁପ୍ତ ନୀତି ଅଟେ ।  ଦ୍ୱିପ୍ରହର ଧୂପ ସରିବା ପରେ ମନ୍ଦିରର ସମସ୍ତ କବାଟ ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ ।  ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁର ମାନଙ୍କର ଶ୍ରୀମୁଖ ଶୃଙ୍ଗାର କରନ୍ତି । ଏହି ନୀତି ସମାପନ ହେବାକୁ ପ୍ରାୟ ଚାରି ଘଣ୍ଟା ସମୟ ଲାଗିଥାଏ । ଏହି ସମୟରେ ଶ୍ରୀମନ୍ଦିରର ସମସ୍ତ ଦ୍ୱାର ସମ୍ପୂର୍ଣ୍ଣ ବନ୍ଦ ରହେ ।  ତିନି ଦାରୁମୂର୍ତ୍ତିଙ୍କ ମୁଖ ମଣ୍ଡଳରେ ଶୃଙ୍ଗାରକୁ ମନ୍ଦିର ଭାଷାରେ ବନକଲାଗି କୁହାଯାଏ ।

ଏହି ବନକଲାଗି ନୀତି ପାଇଁ ଏକ ସ୍ୱତନ୍ତ୍ର ସେବାୟତ ଗୋଷ୍ଠୀ ଅଛନ୍ତି । ଏମାନଙ୍କୁ ଦତ୍ତ ମହାପାତ୍ର କୁହାଯାଏ ।  ଏମାନଙ୍କ କାମ ହେଲା ଶ୍ରୀମୁଖ ଶୃଙ୍ଗାର ପାଇଁ ରଙ୍ଗ ପ୍ରସ୍ତୁତ କରିବା ଓ ବିଗ୍ରହରେ ଲଗାଇବା । ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ମଧ୍ୟ ବ୍ୟବହୃତ ହୋଇଥାଏ ।  ବଜାରରେ ମିଳୁଥିବା ରଙ୍ଗ ବନକ ଲାଗିରେ ବ୍ୟବହାର ହୁଏ ନାହିଁ ।  ମହାପ୍ରଭୁଙ୍କ ଲାଗି ଉର୍ଦ୍ଦିଷ୍ଟ ରଙ୍ଗଗୁଡିକ ପ୍ରସ୍ତୁତ ପାଇଁ ଭିତର ବେଢାର ଉତ୍ତର ପଟେ ଗୋଟିଏ କୋଠରୀ ରହିଛି । ଏହାକୁ ବନକଲାଗି ଘର କୁହାଯାଏ ।  ଶଙ୍ଖକୁ ଚୂର୍ଣ୍ଣ କରି ଧଳାରଙ୍ଗ, ହରିତାଳରୁ ହଳଦିଆ ଓ ହିଙ୍ଗୁଳରୁ କଳା ପ୍ରସ୍ତୁତ ହୁଏ ।  ଏସବୁ ରଙ୍ଗରେ କର୍ପୁର ଓ କସ୍ତୁରୀ ମିଶାଯାଏ । କସ୍ତୁରୀ ଯୋଗୁଁ ମହାପ୍ରଭୁଙ୍କ ମୁଖମଣ୍ଡଳ ଉଜ୍ଜଳ ଓ ମସୃଣ ରହେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
You might also like