୧୨ ଘଣ୍ଟାରେ ଅବପାତ, ପ୍ରବଳ ବର୍ଷା ପାଇଁ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ


ଭୁବନେଶ୍ୱର :
୧୨ ଘଣ୍ଟାରେ ଅବପାତ । ପଶ୍ଚିମ ଓ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆସନ୍ତା ୧୨ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨୪ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଗଞ୍ଜାମ, ଗଜପତି, ରାୟଗଡ଼ା, ମାଲକାନଗିରି, କନ୍ଧମାଳ, ବୌଦ୍ଧ ଓ ପୁରୀ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ମିଂ ଦିଆଯାଇଛି ।

ସେହିପରି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୯ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ଏହି ସ୍ଥିତି ଆହୁରି ୪ ଦିନ ପର୍ଯ୍ୟନ୍ତ ଜାରି ରହିବ। ୨୩ ତାରିଖ ଯାଏ ପ୍ରବଳ ବର୍ଷା ଲାଗି ରହିବ । ଲଘୁଚାପ ପ୍ରଭାବରେ ଆସନ୍ତାକାଲିଠୁ ଓଡ଼ିଶା ଉପକୂଳ ଓ ସଲଗ୍ନ ଉତ୍ତର ବଙ୍ଗୋପସାଗରରେ ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବୋହିପାରେ । ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଦେଖାଦେଇପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ୨୨ ତାରିଖ ଯାଏଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ମୌସୁମୀ ଋତୁରେ ଏଯାଏ ରାଜ୍ୟରେ ୨୭ ପ୍ରତିଶତ କମ ବର୍ଷା ହୋଇଥିବା ଜଣାଯାଇଛି ।

You might also like