ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି, ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ): ଉତ୍ତର-ପଶ୍ଚିମ ଓ ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ। ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହା ଏବେ ଲଘୁଚାପର ରୂପ ନେଇଛି। ଫଳରେ ଗୁରୁବାର ମଧ୍ୟରାତିରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି । ଆଜି ଦିନ ୮ଟା ୩୦ ଯାଏ ଗଞ୍ଜାମ, ଗଜପତି, କନ୍ଧମାଳ ଓ ପୁରୀରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କଟକ, କେନ୍ଦ୍ରାପଡ଼ା, ଭଦ୍ରକ, ଖୋର୍ଦ୍ଧା ସମେତ ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୨ ତାରିଖ ଦିନ ୮ଟା ୩୦ ଯାଏ ୫ ଜିଲ୍ଲାକୁ ୟେଲୋ ଓ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି ।.

ଏଥିସହିତ କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, କଟକ, ଖୋର୍ଦ୍ଧା, ଯାଜପୁର, ଭଦ୍ରକ, ବାଲେଶ୍ବର, କେନ୍ଦୁଝର ଓ ମୟୂରଭଞ୍ଜର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଜି ବଜ୍ରପାତ ହେବାର ସମ୍ଭାବନା ରହିଥିବା ନେଇ ଆଞ୍ଚଳିକ ପାଣିପାଗ ‌ବିଜ୍ଞାନ କେନ୍ଦ୍ର ତରଫରୁ କୁହାଯାଇଛି।

ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ଗଞ୍ଜାମ, ଅନୁଗୁଳ, ଯାଜପୁର, ଭଦ୍ରକ, ବାଲେଶ୍ବର, ମୟୂରଭଞ୍ଜ, କନ୍ଧମାଳ, ନୟାଗଡ଼, ବୌଦ୍ଧ ଏବଂ ଖୋର୍ଦ୍ଧା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକୁ ସତର୍କ କରାଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।