କୋଭିଡ୍‌ ନିୟମ ପାଳନରେ ହେଳା କଲେ ପୁଣି ଲାଗୁ ହେବ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌

ଭୁବନେଶ୍ୱର (କେନ୍ୟୁଜ୍‌) : ତୃତୀୟ ଲହର ସଂପର୍କରେ ବୈଜ୍ଞାନିକ ଓ ବିଶେଷଜ୍ଞମାନେ ସତର୍କ କରି ସାରିଲେଣି । ବିଶ୍ବର ବିଭିନ୍ନ ସ୍ଥାନରେ ତୃତୀୟ ଲହର ଭୟଙ୍କର ହେବାରେ ଲାଗିଛି। ତେଣୁ ଏ ପରିସ୍ଥିତିରେ କୋଭିଡ ନିୟମ ପାଳନରେ କୌଣସି ଢିଲା ଗୁରୁତର ହୋଇପାରେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି । ଆଜି ରାଜ୍ୟବାସୀଙ୍କ ଉଦ୍ଦେଶ୍ୟରେ ଏକ ବାର୍ତ୍ତା ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନୟକ କହିଛନ୍ତି ଯେ ଅନ୍ଲକ୍ ପରେ କେତେକ ମାର୍କେଟରେ ଵହୁତ ଭିଡ ହେଉଛି । ଏହା ଅତ୍ୟନ୍ତ ବିପଦପୂର୍ଣ୍ଣ । ଏହାଦ୍ବାରା ଆମେ ନିଜ ପାଇଁ ଓ ନିଜ ପ୍ରିୟଜନଙ୍କ ପାଇଁ ବିପଦକୁ ଆମନ୍ତ୍ରଣ କରୁଛୁ । ଆମେ କିଛି ଜାଣିବା ପୂର୍ବରୁ ସଂକ୍ରମଣ ବହୁ ଭାବରେ ବଢି ଯାଇପାରେ। ତେଣୁ ସରକାର ପରିସ୍ଥିତି ଉପରେ ସତର୍କ ଦୃଷ୍ଟି ରଖିଛନ୍ତି । ଯଦି ସରକାର ଅନୁଭବ କରନ୍ତି ଯେ ଲୋକମାନେ କୋଭିଡ ନିୟମକୁ ଠିକ୍ ଭାବରେ ପାଳନ କରୁନାହାନ୍ତି, ତେବେ ପୁଣି ଥରେ complete lockdown ଘୋଷଣା କରିବାକୁ ସରକାର ବାଧ୍ୟ ହେବେ ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରିଦେଇଛନ୍ତି।

କୋଭିଡ୍‌ ବିରୋଧୀ ଯୁଦ୍ଧ ଏବେବି ସରି ନାହିଁ

ନବୀନ କହିଛନ୍ତି ଯେ ଯୁଦ୍ଧ ଏପର୍ଯ୍ୟନ୍ତ ସରିନାହିଁ । ଦେଶର ଅନ୍ୟ ରାଜ୍ୟମାନଙ୍କରେ କୋଭିଡ କେସ୍ ବଢୁଛି । ଭୁବନେଶ୍ବରରେ ସଂକ୍ରମଣ ସ୍ଥିର ଅବସ୍ଥାରେ ଅଛି । ଜୀବନ ଓ ଜୀବିକା ଉଭୟକୁ ଗୁରୁତ୍ବ ଦେଇ ଓଡିଶା ଧୀରେ ଧୀରେ ଅନ୍ଲକ୍ ହେଉଛି । କିନ୍ତୁ ବିପଦ ଏପର୍ଯ୍ୟନ୍ତ ଦୂର ହୋଇନାହିଁ । କରୋନା ଭାଇରସ୍ ଏବେ ବି ଆମ ଆଖପାଖରେ ରହିଛି ଓ ରୂପ ବଦଳାଇ ଗୁରୁତର ଆକ୍ରମଣ କରିବା ଶକ୍ତି ମଧ୍ୟ ତାର ରହିଛି । ତେଣୁ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଛନ୍ତି । ଏହାଦ୍ବାହା ହିଁ ଆମେ ତୃତୀୟ ଲହରର ଭୟାବହତାକୁ କମ୍ କରି ଦେଇ ପାରିବା ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦ୍ବିତୀୟ ଲହରରେ ଆମେ ଦେଖିଲେ କରୋନା ଭାଇରସ୍ କାହାରିକୁ ଛାଡି ନାହିଁ । ବୁଢା ଠାରୁ ପିଲା ପର୍ଯ୍ୟନ୍ତ ସମସ୍ତେ ସଂକ୍ରମିତ ହୋଇଛନ୍ତି । ଟିକା କେବଳ ଗୁରୁତର ଅବସ୍ଥାରୁ ଆମକୁ ସୁରକ୍ଷା ଦେଉଛି । କିନ୍ତୁ ଟିକା ନେଲେ ମଧ୍ୟ ନିଜେ ସଂକ୍ରମିତ ହେବା ବା ଅନ୍ୟକୁ ସଂକ୍ରମିତ କରିବାର ଭୟ ରହୁଛି ବୋଲି ମୁଖ୍ୟମନ୍ତ୍ରୀ ସତର୍କ କରାଇ ଦେଇଛନ୍ତି ।

ଡାକ୍ତର ଓ ସ୍ୱାସ୍ଥ୍ୟକର୍ମୀଙ୍କ ସମ୍ମାନ କରନ୍ତୁ

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଦ୍ବିତୀୟ ଲହରରେ ଅନ୍ୟ ରାଜ୍ୟମାନଙ୍କର ଯେଭଳି ଅବସ୍ଥା ଆମେ ଦେଖିଲେ, ସେ ପରିସ୍ଥିତି ଓଡିଶାରେ ଘଟି ନାହିଁ । ଆମର ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀମାନଙ୍କର କଠିନ ପରିଶ୍ରମ ଯୋଗୁଁ ଓଡିଶା ଆଜି ଭଲ ସ୍ଥିତିରେ ଅଛି । ଡାକ୍ତରମାନେ ଆମର ସୁରକ୍ଷା ପାଇଁ ଦିନରାତି କାମ କରୁଛନ୍ତି । ତେଣୁ ସେମାନଙ୍କ ତ୍ୟାଗକୁ ସମ୍ମାନ ଜଣାଇ ସେମାନଙ୍କ ସହ ଆମକୁ ଦାୟିତ୍ବପୂର୍ଣ୍ଣ ଭାବରେ ବ୍ୟବହାର କରିବାକୁ ହେବ ।

ଏବେ ନିଷ୍ପତ୍ତି ଆପଣଙ୍କ ହାତରେ

ଦ୍ବିତୀୟ ଲହରର ମୁକାବିଲାରେ ଜନସାଧାରଣ ଯେପରି ପ୍ରଶାସନକୁ ସାହାଯ୍ୟ ଓ ସହଯୋଗ ଯୋଗାଇଥିଲେ, ସେଥିପାଇଁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏବେ ନିଷ୍ପତ୍ତି ଆପଣମାନଙ୍କ ହାତରେ । ଜୀବନ ଅମୂଲ୍ୟ । ଆମର ଦାୟିତ୍ବପୂର୍ଣ୍ଣ ବ୍ୟବହାର ହିଁ ତୃତୀୟ ଲହରକୁ ରୋକି ପାରିବ । ତେଣୁ ଓଡିଶାକୁ ନିରାପଦ ରଖିବା ପାଇଁ ସେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ‘ଆପଣଙ୍କ ପ୍ରିୟଜନଙ୍କ ସୁରକ୍ଷା ପ୍ରତି ଧ୍ୟାନ ଦିଅନ୍ତୁ ଏବଂ ନିରାପଦ ଭାବରେ ଜୀବନ ଜୀବିକା ଯେପରି ଆଗକୁ ବଢି ଚାଲିବ ସେଥିରେ ସହଯୋଗ କରନ୍ତୁ ।’

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.