ଆଜି ଉତ୍କଳ ଦିବସ: ପ୍ରତିଟି ଓଡ଼ିଆଙ୍କ ପାଇଁ ଗର୍ବ ଓ ଗୌରବର ଦିନ

ଆଜି ଉତ୍କଳ ଦିବସ । ୧୯୩୬ ମସିହା ଏପ୍ରିଲ ୧ ତାରିଖ । ଓଡ଼ିଶା ଇତିହାସରେ ସ୍ବର୍ଣ୍ଣିମ ଅକ୍ଷରରେ ବିଦିତ ଏକ ଅବିସ୍ମରଣୀୟ ତାରିଖ । ଯାହାକୁ ନେଇ ପ୍ରତ୍ୟେକ ଓଡ଼ିଆ ନିଜକୁ ଗର୍ବିତ ଅନୁଭବ କରନ୍ତି । ଯାହା ବୟାନ କରେ ଓଡ଼ିଶା ରାଜ୍ୟ ଗଠନର ଗୌରବମୟ ଇତିହାସ ।

ଭୁବନେଶ୍ୱର (କେନ୍ୟୁଜ): ଆଜି ଉତ୍କଳ ଦିବସ । ପ୍ରତିଟି ଓଡ଼ିଆଙ୍କ ପାଇଁ ଗର୍ବ ଓ ଗୌରବର ଦିନ । ୧୯୩୬ ମସିହା ଏପ୍ରିଲ ମାସ ୧ ତାରିଖରେ ଓଡ଼ିଶାକୁ ମିଳିଥିଲା ଦେଶର ପ୍ରଥମ ଭାଷାଭିତିକ ରାଜ୍ୟ ମାନ୍ୟତା । ଓଡ଼ିଆ ଜାତିର ଅସ୍ମିତାର ସୁରକ୍ଷା ନେଇ ଏକ ସୁଦୀର୍ଘ ସଂଗ୍ରାମର କାହାଣୀ କୁହେ ଏହି ତାରିଖ । ଓଡ଼ିଆ ଜାତିର ଗର୍ବ ଓ ଗୌରବ ବହନ କରୁଥିବା ଏହି ତାରିଖକୁ ଉତ୍କଳ ଦିବସ ଭାବେ ପାଳନ କରିଆସୁଛି ସାରା ରାଜ୍ୟ । ଏହାରି ଭିତରେ ୮୭ ବର୍ଷ ପୂର୍ଣ୍ଣ ହୋଇଛି ।

ଏହି ଦିନ ଦେଶର ପ୍ରଥମ ଭାଷାଭିତ୍ତିକ ରାଜ୍ୟ ଭାବେ ଓଡ଼ିଶା ଜନ୍ମ ନେଇଥିଲା। ପୂର୍ବରୁ ଉତ୍କଳ ଖଣ୍ଡ ବିଖଣ୍ଡିତ ହୋଇ ପଡ଼ି ରହିଥିଲା। ପଶ୍ଚିମରେ ସମ୍ବଲପୁର ମଧ୍ୟପ୍ରଦେଶ ସହିତ ମିଶିଥିବାବେଳେ ଉତ୍ତରରେ ବାଲେଶ୍ବରରେ ବଙ୍ଗଳାର ପ୍ରଭାବ, କେତେକ ଅଞ୍ଚଳ ବିହାରରେ, ଦକ୍ଷିଣରେ ଗଞ୍ଜାମ ମାଡ୍ରାସ ପ୍ରେସିଡେନ୍ସି ଅଧୀନରେ ଥିଲା। ଉତ୍କଳ ଗୌରବ ମଧୁସୂଦନ ଦାସ, ମହାରାଜା କୃଷ୍ଣଚନ୍ଦ୍ର ଗଜପତି, ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ, ଉତ୍କଳମଣି ଗୋପବନ୍ଧୁ ଦାସ, ବ୍ୟାସକବି ଫକୀରମୋହନ ସେନାପତି, ରାଧାନାଥ ରାୟ, ସ୍ବଭାବକବି ଗଙ୍ଗାଧର ମେହେରଙ୍କ ପରି ଓଡ଼ିଶାର ବୀରପୁତ୍ରମାନେ ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନ ପାଇଁ ସଂଘର୍ଷ କରିଥିଲେ। ଏହି ବୀରପୁତ୍ରଙ୍କ ଉଦ୍ୟମରେ ୧୯୦୩ରେ ପ୍ରଥମେ ଗଠନ ହେଲା ‘ଉତ୍କଳ ସମ୍ମିଳନୀ’। ଅବିଶ୍ରାନ୍ତ ସଂଗ୍ରାମ ପରେ ୧୯୩୬ ମସିହା ଏପ୍ରିଲ୍ ୧ରେ ଗଠନ ହେଲା ସ୍ବତନ୍ତ୍ର ଓଡ଼ିଶା ପ୍ରଦେଶ।

ଏହାକୁ ସ୍ମରଣୀୟ କରିବା ପାଇଁ ଆଜି ରାଜ୍ୟବାସୀ ବେଶ୍ ଧୁମଧାମରେ ପାଳନ କରିବେ ଓଡ଼ିଶା ଦିବସ । ଉତ୍କଳ ଦିବସ ପାଇଁ ରାଜଧାନୀର ପ୍ରମୁଖ ସରକାରୀ କାର୍ଯ୍ୟାଳୟକୁ ରଙ୍ଗୀନ ଆଲୋକମାଳାରେ ସଜ୍ଜିତ କରାଯାଇଛି । ବିଧାନସଭା, ଲୋକସେବା ଭବନ, ଖାରବେଳ ଭବନ, ନିର୍ମାଣ ସୌଧ, କମିସନରେଟ୍ ପୁଲିସ ମୁଖ୍ୟାଳୟ ରଙ୍ଗ ବେରଙ୍ଗ ଆଲୋକରେ ଝଲସି ଉଠିଛି । ସେହିପରି କୃଷି ଭବନ, ରିଜର୍ଭ ବ୍ୟାଙ୍କ ଓ ଏସ୍ବିଆଇ ମୁଖ୍ୟ କାର୍ଯ୍ୟାଳୟକୁ ମଧ୍ୟ ସଜା ଯାଇଛି ।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.