ଆଜି ଅବପାତର ରୂପ ନେବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ, ୧୨ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର(କେନ୍ୟୁଜ): ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ୱେଲ ମାର୍କଡରେ ପରିଣତ ହେବା ପରେ ଆଜି ଅବପାତର ରୂପ ନେଇପାରେ । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହା ଉତ୍ତର ପଶ୍ଚିମ ଏବଂ ଉତ୍ତର ଓ ଉତ୍ତର-ପୂର୍ବ ଦିଗରେ ଗତି କରିବ। ଅଧିକ ଘନୀଭୂତ ହୋଇ ପରବର୍ତ୍ତୀ ୨୪ ଘଣ୍ଟାରେ ଏହା ଗଭୀର ଅବପାତରେ ପରିଣତ ହେବା ସମ୍ଭାବନା ଥିବା ପାଣିପାଗ ବିଭାଗ ତରଫରୁ କୁହାଯାଇଛି ।

ଏହା ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡିଶାର ଅନେକ ସ୍ଥାନରେ ପ୍ରବଳ କିମ୍ବା ଅତି ପ୍ରବଳ ବର୍ଷା ହେବ। ତେବେ ଏଥିପାଇଁ ବାର ଟି ଜିଲ୍ଲାକୁ ସତର୍କ କରିଛି ପାଣିପାଗ ବିଭାଗ। ଅତି ପ୍ରବଳ ବର୍ଷା ନେଇ ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକ ହେଉଛନ୍ତି ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ।

ସେହିପରି ପ୍ରବଳ ବର୍ଷା ସମ୍ଭାବନା ନେଇ ଅନ୍ୟ ୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର, ମୟୂରଭଞ୍ଜ ଏବଂ ଢେଙ୍କାନାଳକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଏସବୁ ଜିଲ୍ଲାମାନଙ୍କରେ ପବନ ସହ ବର୍ଷା ହେବା ସମ୍ଭାବନା ରହିଛି। ଅନ୍ୟପଟେ ଆଜି ଏବଂ ଆସନ୍ତାକାଲି ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୪୦କିମି ଏବଂ ସମୟ ସମୟରେ ୫୦କିମି ବେଗରେ ପବନ ବହିବା ନେଇ ପୂର୍ବାନୁମାନ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.