ବହୁ ଚର୍ଚ୍ଚିତ ବଲାଙ୍ଗିର ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ଆବେଦନକାରୀଙ୍କ ଓକିଲଙ୍କୁ ପୋଲିସ ଫାଇଲ ହସ୍ତାନ୍ତର କରିବା ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ(କେନ୍ୟୁଜ୍):ବହୁ ଚର୍ଚ୍ଚିତ ବଲାଙ୍ଗିର ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ମୁଖ୍ୟ ଅଭିଯୁକ୍ତ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କ ଜାମିନ ଆବେଦନର ଶୁଣାଣି କରି ଆବେଦନକାରୀଙ୍କ ଓକିଲଙ୍କୁ ପୋଲିସ ଫାଇଲ ହସ୍ତାନ୍ତର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ନିର୍ଦ୍ଦେଶ ଦେଇଛନ୍ତି। ସୋମବାର ସୁଦ୍ଧା ଏହା ପ୍ରଦାନ କରିବା ପାଇଁ ସରକାରଙ୍କୁ ନିର୍ଦ୍ଦେଶ ଦେଇ ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ୨୨ତାରିଖକୁ ଧାର୍ଯ୍ୟ କରିଛନ୍ତି ।

ଆବେଦନକାରୀଙ୍କ ପକ୍ଷରୁ ଆଇନଜୀବୀ ବାସୁଦେବ ପୂଜାରୀ ଓ ସରକାରଙ୍କ ପକ୍ଷରୁ ଏଏସ୍‌ସି ପ୍ରିୟବ୍ରତ ତ୍ରିପାଠୀ ମାମଲା ପରିଚାଳନା କରୁଛନ୍ତି। ୨୦୧୮ ଫେବ୍ରୁୟାରୀ ୨୩ରେ ନବ ବିବାହିତ ସୌମ୍ୟଶେଖର ଓ ପତ୍ନୀ ରୀମା ଆସିଥିବା ଏକ ପାର୍ସଲ ଖୋଲୁଥିବା ବେଳେ ବିସ୍ଫୋରଣ ଘଟିଥିଲା । ଘଟଣାସ୍ଥଳରେ ସୌମ୍ୟଶେଖରଙ୍କ ଜେଜେ ମା’ଙ୍କ ମୃତ୍ୟୁ ହୋଇଥିଲା। ଗୁରୁତର ଅବସ୍ଥାରେ ସୌମ୍ୟଶେଖର ଓ ରୀମାଙ୍କୁ ବଲାଙ୍ଗିର ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସୌମ୍ୟଶେଖରଙ୍କ ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ରୀମାଙ୍କୁ କଟକ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଏହି ଘଟଣାକୁ ନେଇ ପ୍ରଥମେ ପାଟଣାଗଡ଼ ଥାନା ପୋଲିସ ଓ ପରେ କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରିଥିଲା । ଏହି ଘଟଣାର ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ୨୦୧୮ ଏପ୍ରିଲ ୨୫ରେ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.