ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର, ଭେଣ୍ଟିଲେଟର ରଖାଯାଇ କରାଯାଉଛି ଚିକିତ୍ସା

କେନ୍ୟୁଜ୍(ବ୍ୟୁରୋ): ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର । ଭୁବନେଶ୍ୱରର ଏକ ଘରୋଇ ହସପିଟାଲରେ ସେ ଚିକିତ୍ସିତ ହେଉଛନ୍ତି । ତାଙ୍କୁ ଭେଣ୍ଟିଲେଟର ସହାୟତାରେ ରଖାଯାଇଥିବା ସୂଚନା ମିଳିଛି ।ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଦୀପ ମହାରଥୀଙ୍କ ପରିବାର ସହ ଫୋନରେ କଥା ହେବା ସହ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ଏହା ସହିତ ମହାରଥୀଙ୍କୁ ଚିକିତ୍ସା କରୁଥିବା ଡାକ୍ତରମାନଙ୍କ ସହ ମଧ୍ୟ ମୁଖ୍ୟମନ୍ତ୍ରୀ କଥା ହୋଇ ତାଙ୍କୁ ଯଥାସମ୍ଭବ ସର୍ବୋତ୍ତମ ଚିକିତ୍ସା ପ୍ରଦାନ କରିବାକୁ ଅନୁରୋଧ କରିଛନ୍ତି ।
ଶ୍ରୀ ମହାରଥୀ ଗତ ସେପ୍ଟେମ୍ବର ୧୪ ତାରିଖରେ କରୋନା ଆକ୍ରାନ୍ତ ଥିବା ଜଣାପଡ଼ିଥିଲା । ଏହାପରେ ଭୁବନେଶ୍ୱରର ଖଣ୍ଡଗିରିସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା ପାଇଁ ତାଙ୍କୁ ଭର୍ତ୍ତି କରାଯାଇଥିଲା। ପ୍ରଥମେ ତାଙ୍କୁ ୪୮ ଘଣ୍ଟା ପାଇଁ ପର୍ଯ୍ୟବେକ୍ଷଣରେ ରଖାଯାଇଥିଲା ଓ ପରେ କ୍ରମଶଃ ତାଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡ଼ିବା ଆରମ୍ଭ ହୋଇଥିଲା।