ବଙ୍ଗୋପସାଗରରେ ଅବପାତ ରୂପ ନେଲା ଲଗୁଚାପ, କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର : ବଙ୍ଗୋପସାଗରରେ ଅବପାତ । ପଶ୍ଚିମ କେନ୍ଦ୍ରୀୟ ଏବଂ ଏହାରପାର୍ଶ୍ବବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପରେ ଥିବା ସୁଦୃଶ୍ୟ ଲଘୁଚାପ ଅଧିକ ଘନୀଭୂତ ହେଇ ଅବପାତର ରୂପ ନେଇଛି । ଏହା କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳ ଏବଂ ଏହାର ପାର୍ଶ୍ବବର୍ତ୍ତୀ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କରିବ । ବିଶାଖାପାଟନା ଓ ଗୋପାଳପୁର ମଧ୍ୟରେ ଆଜି ମଧ୍ୟରାତ୍ରିରେ ଅତିକ୍ରମ କରିବ ।

ଏହାର ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।  ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।  ସେଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।  ସେହିପରି ନୂଆପଡ଼ା, କଳାହାଣ୍ଡି, ରାୟଗଡ଼ା, ଗଜପତି ଓ ବଲାଙ୍ଗିର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।  ଲଘୁଚାପ ପାଇଁ ସମୁଦ୍ର ଅଶାନ୍ତ ରହୁଥିବାରୁ ୧ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି ।