ସକ୍ରିୟ ରହିଛି ଘୂର୍ଣ୍ଣିବଳୟ: ଆଜି ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା
ଭୁବନେଶ୍ୱର : ଆଜି ବି ସାରା ରାଜ୍ୟରେ ଲାଗି ରହିବ ବର୍ଷା । ଆଜି ୭ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଓ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଏବଂ ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କଟକ, ଝାରସୁଗୁଡ଼ା, ସମ୍ବଲପୁର , ବରଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
୨୯ ଓ ୩୦ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର ଓ ଦେବଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ଅଛି । ଫଳରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେଉଛି । ଆଉ ୪ ଦିନ ପ୍ରବଳ ବର୍ଷିବ। ଅନ୍ୟପଟେ ଜୁନ ୧ ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୧୮୧.୬ ମିମି ବର୍ଷା ହେବା କଥା। କିନ୍ତୁ ୧୧୧.୧ ମିମି ବର୍ଷା ହୋଇଛି। ୩୯ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି । ୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା, ୪ ଜିଲ୍ଲାରେ ଅତ୍ୟଧିକ ନିଅଣ୍ଟିଆ ଏବଂ ୨୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି ।