ରାଷ୍ଟ୍ରୀୟ ଏକତା ଦିବସ ଉପଲକ୍ଷେ ରାଜଧାନୀରେ ‘ରନ୍ ଫର୍ ୟୁନିଟି’ ମାରାଥନ୍, ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରେ ‘ରନ ଫର ୟୁନିଟି’ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି। ଓଡ଼ିଶା କ୍ରୀଡ଼ା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ କାର୍ଯ୍ୟକ୍ରମର ଆୟୋଜନ ହୋଇଛି । କଳିଙ୍ଗ ଷ୍ଟାଡିୟମ୍ ପରିସରରେ ଏହାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପତାକା ଦେଖାଇ ଉଦଘାଟନ କରିଛନ୍ତି । ଏହି ଦୌଡ଼ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ଉଚ୍ଚ ଶିକ୍ଷା ଓ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ, ପଞ୍ଚାୟତରାଜ ମନ୍ତ୍ରୀ ରବି ନାରାୟଣ ନାଏକ, ଏକାମ୍ର ବିଧାୟକ ବାବୁ ସିଂହ, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ସାମିଲ ହୋଇଛନ୍ତି।
ଭୁବନେଶ୍ବର କଳିଙ୍ଗ ଷ୍ଟାଡିୟମରୁ ରାଜଭବନ ଯାଏ ଏକତା ଦୌଡ଼ ହୋଇଥିଲା । ଭାରତର ଏକତା ଓ ଅଖଣ୍ଡତାକୁ ବଜାୟ ରଖିବା ପାଇଁ ନିଜ ଜୀବନ ସମର୍ପି ଦେଇଥିବା ତଥା ଭାରତର ଲୌହମାନବ ଭାବେ ପରିଚିତ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ସ୍ମୃତି ଏବଂ ସମ୍ମାନରେ ଏହି କାର୍ଯ୍ୟକ୍ରମ ହେଉଛି ।