ଭରତପୁର ଥାନା ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣା, ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର ଘଟଣାରେ ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ ।  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଏକ ଉଚ୍ଚସ୍ତରୀୟ ବୈଠକରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।  ଜଷ୍ଟିସ ଚିତ୍ତରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ହେବ ତଦନ୍ତ ।  ୬୦ ଦିନ ମଧ୍ୟରେ ଆସିବ ତଦନ୍ତ ରିପୋର୍ଟ। ଏହାସହିତ ହାଇକୋର୍ଟଙ୍କ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ବରାନ୍ବିତ କରିବା ପାଇଁ ମଧ୍ୟ ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି ।

ମୁଖ୍ୟମନ୍ତ୍ରୀ ଆଇନର ଶାସନ ଉପରେ ସର୍ବାଧିକ ଗୁରୁତ୍ବାରୋପ କରିଆସିଛନ୍ତି ।  ଏହାସହିତ ଭାରତୀୟ ସେନା ପ୍ରତି ମଧ୍ୟ ରାଜ୍ୟ ସରକାରଙ୍କ ସମ୍ମାନ ରହିଛି ।  ମହିଳାଙ୍କ ସମ୍ମାନ, ସୁରକ୍ଷା ଓ ଅଧିକାର ପ୍ରତି ରାଜ୍ୟ ସରକାର ସମ୍ପୂର୍ଣ୍ଣଭାବେ ଯତ୍ନବାନ ଅଛନ୍ତି ।  ଏହି ଘଟଣାରେ ସଂପୃକ୍ତ ପୋଲିସ ଅଧିକାରୀ ମାନଙ୍କୁ ନିଲମ୍ବିତ କରାଯିବା ସହିତ ସେମାନଙ୍କ ବିରୁଦ୍ଧରେ କେସ୍ ମଧ୍ୟ କରାଯାଇଛି  ।  ଘଟଣାରେ ସଂପୃକ୍ତ ଯୁବକ ମାନଙ୍କ ବିରୁଦ୍ଧରେ ମଧ୍ୟ କାର୍ଯ୍ୟାନୁଷ୍ଠାନ କରାଯାଇଛି ।

ଆଇନ ଅନୁଯାୟୀ ଦେଷୀସାବ୍ୟସ୍ତ ସମସ୍ତ ବ୍ୟକ୍ତି ବା ଅଧିକାରୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ ହୋଇ ପଦକ୍ଷେପ ନେଇଛନ୍ତି ।  ବୈଠକରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ପ୍ରଭାତୀ ପରିଡା, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ, ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ ଏବଂ ପୋଲିସ ଡିଜି ୱାଇ.ବି ଖୁରାନିଆ ପ୍ରମୁଖ ଉପସ୍ଥିତ ଥିଲେ ।

You might also like