ଆଜି ପବିତ୍ର ମାଘ ପୂର୍ଣିମା: ଶ୍ରୀମନ୍ଦିରରେ ଗଜଉଧାରଣ ବେଶରେ ଦର୍ଶନ ଦେବେ ଶ୍ରୀଜିଉ

ପୁରୀ: ଆଜି ପବିତ୍ର ମାଘ ପୂର୍ଣିମା । ଏହି ଅବସରରେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଗଜଉଧାରଣ ବେଶ ଅନୁଷ୍ଠିତ ହେବ । ଏହି ବେଶରେ ଶ୍ରୀଜଗନ୍ନାଥ ଚତୁର୍ଭୁଜ ହୋଇ ଶଙ୍ଖ, ଚକ୍ର, ଗଦା ଓ ପଦ୍ମ ଧାରଣ କରି ଠାକୁର ଗରୁଡ ଉପରେ ବସିବା ଭଙ୍ଗୀରେ ଥାଇ ଲକ୍ଷ୍ମୀ ପ୍ରତିମାଙ୍କୁ କୋଳରେ ଧାରଣ କରିବେ।

ଶ୍ରୀ ବଳଭଦ୍ର ଚତୁଃହସ୍ତରେ ଶଙ୍ଖ, ଚକ୍ର, ହଳ, ମୁଷଳ ଧାରଣ କରି ବାସୁଦେବଙ୍କ ରୂପରେ ବିରାଜମାନ କରିବେ । ସେହିପରି ଦେବୀ ସୁଭଦ୍ରା ଶ୍ରୀକୃଷ୍ଣଙ୍କ ସଦୃଶ ପାଦ ଛନ୍ଦି ଏକ ପଦ୍ମ କଢ଼ ଧରି ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେବେ । ମଧ୍ୟାହ୍ନ ଧୂପ ପରେ ଶ୍ରୀମନ୍ଦିର ରତ୍ନ ସିଂହାସନ ଉପରେ ମହାପ୍ରଭୁଙ୍କ ଏହି ବେଶ ଅନୁଷ୍ଠିତ ହେବ ।

ସନ୍ଧ୍ୟା ଧୂପରେ ଠାକୁରଙ୍କୁ କ୍ଷୀରି ଓ ଅମାଲୁ ଭୋଗ କରାଯିବ । ପୌରାଣିକ କଥା ଅନୁଯାୟୀ ଏକଦା ବରୁଣ ହ୍ରଦରେ ଗଜରାଜ ସ୍ନାନ କରୁଥିବା ବେଳେ କୁମ୍ବୀର ତାଙ୍କୁ ଆକ୍ରମଣ କରିଥିଲା । ଗଜରାଜ କ୍ଷତବୀକ୍ଷତ ଅବସ୍ଥାରେ ବିକଳ ହୋଇ ଉଦ୍ଧାର ପାଇଁ ଭଗବାନଙ୍କୁ ପ୍ରାର୍ଥନା କରିଥିଲେ । ଭକ୍ତର ଡାକ ଶୁଣି ଠାକୁର କୁମ୍ଭୀର କବଳରୁ ଗଜରାଜଙ୍କୁ ଉଦ୍ଧାର କରିଥିଲେ । ସେହି ସ୍ମୃତିରେ ଶ୍ରୀମନ୍ଦିରରେ ଶହଶହ ବର୍ଷ ଧରି ଠାକୁରଙ୍କ ଏହି ଗଜଉଦ୍ଧାରଣ ବେଶ ଅନୁଷ୍ଠିତ ହୋଇ ଆସୁଛି ।