ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ, ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର କରିଛନ୍ତି ପରିଧାନ

କେନ୍ୟୁଜ ବ୍ୟୁରୋ : ଆଜି ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହୋଇଛି। ଅବକାଶ ନୀତି ପରେ ବଡ଼ଠାକୁରଙ୍କୁ ହରିହର ବେଶରେ ସଜିତ କରାଯାଇଥିଲା। ବଡ଼ଠାକୁରଙ୍କୁ ହର ବା ଶିବ ବୋଲି ବିବେଚନା କରାଯାଉଥିବାବେଳେ, ଏହି ବେଶରେ ହରି ଓ ହରଙ୍କ ଆତ୍ମୀୟତା ପ୍ରସ୍ଫୁଟିତ ହୋଇଥାଏ। ଏହି ବେଶରେ ବଡ଼ଠାକୁର ଅର୍ଦ୍ଧେକ ଧଳା ଓ ଅର୍ଦ୍ଧେକ କଳା ଦିଶିବା ସହ ୩୨ ପ୍ରକାର ସୁବର୍ଣ୍ଣ ଅଳଙ୍କାର ପରିଧାନ କରିଛନ୍ତି।

କାର୍ତ୍ତିକ ମାସର ଦୀପାବଳି ଅମାବାସ୍ୟାଠାରୁ ଶୁକ୍ଳ ଦଶମୀ ମଧ୍ୟରେ ସୋମବାର ପଡ଼ିଲେ ବଡ଼ଠାକୁରଙ୍କ ହରିହର ବେଶ ହେବାର ବିଧି ରହିଛି । ଚଳିତ ବର୍ଷ ଦୀପାବଳି ଅମାବାସ୍ୟା ପରେ ଆଜି ସୋମବାର ଶ୍ରୀମନ୍ଦିର ମହାପ୍ରଭୁଙ୍କ ଅବକାଶ ନୀତି ପରେ ବଡ଼ଠାକୁରଙ୍କ ହରିହର ବେଶ ଅନୁଷ୍ଠିତ ହୋଇଛି। ମହାପ୍ରଭୁ ଜଗନ୍ନାଥ ରାଧା ଦାମୋଦର ବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି। ପୁଷ୍ପାଳକ ସେବକମାନେ ବଡ଼ଠାକୁରଙ୍କୁ ହରିହର ବେଶରେ ଏବଂ ଶ୍ରୀଜଗନ୍ନାଥଙ୍କୁ ରାଧାଦାମୋଦର ବେଶରେ ସଜ୍ଜିତ କରନ୍ତି। ଶ୍ରୀମନ୍ଦିରରେ ବଡ଼ଠାକୁରଙ୍କ ହରିହର ବେଶ ସାଙ୍ଗକୁ ଶ୍ରୀଜଗନ୍ନାଥଙ୍କର ରାଧାଦାମୋଦର ବେଶରେ ଦର୍ଶନ ଦିଅନ୍ତି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.